ଲୋକମାନଙ୍କୁ ଶଲୋମନଙ୍କ ଉଦ୍‍ବୋଧନ

14ତହୁଁ ରାଜା ମୁଖ ଫେରାଇ ଇସ୍ରାଏଲର ସମଗ୍ର ସମାଜକୁ ଆଶୀର୍ବାଦ କଲେ; ପୁଣି, ଇସ୍ରାଏଲର ସମଗ୍ର ସମାଜ ଠିଆ ହେଲେ। 15ଆଉ ସେ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଧନ୍ୟ, ଯେ ଆପଣା ମୁଖରେ ଆମ୍ଭ ପିତା ଦାଉଦଙ୍କୁ ଏହି କଥା କହିଥିଲେ ଓ ଆପଣା ହସ୍ତରେ ତାହା ସଫଳ କରିଅଛନ୍ତି, ଯଥା, 16‘ଆମ୍ଭେ ଆପଣା ଇସ୍ରାଏଲ ଲୋକଙ୍କୁ ମିସରରୁ ବାହାର କରି ଆଣିବା ଦିନାବଧି ଆମ୍ଭ ନାମ ସ୍ଥାପନାର୍ଥେ ଗୃହ ନିର୍ମାଣ କରିବା ପାଇଁ ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରୁ କୌଣସି ନଗର ମନୋନୀତ କରି ନାହୁଁ; ମାତ୍ର ଆମ୍ଭେ ଆପଣା ଲୋକ ଇସ୍ରାଏଲର ଅଧ୍ୟକ୍ଷ ହେବା ପାଇଁ ଦାଉଦଙ୍କୁ ମନୋନୀତ କଲୁ।’ 17ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ନାମ ଉଦ୍ଦେଶ୍ୟରେ ଗୋଟିଏ ଗୃହ ନିର୍ମାଣ କରିବାକୁ ମୋହର ପିତା ଦାଉଦଙ୍କର ସଂକଳ୍ପ ଥିଲା। 18ମାତ୍ର, ସଦାପ୍ରଭୁ ମୋʼ ପିତା ଦାଉଦଙ୍କୁ କହିଲେ, ‘ଆମ୍ଭ ନାମ ଉଦ୍ଦେଶ୍ୟରେ ଏକ ଗୃହ ନିର୍ମାଣ କରିବାକୁ ତୁମ୍ଭର ସଂକଳ୍ପ ଅଛି, ତୁମ୍ଭର ଏହି ସଂକଳ୍ପ କରିବା ଉତ୍ତମ; 19ତଥାପି ତୁମ୍ଭେ ସେହି ଗୃହ ନିର୍ମାଣ କରିବ ନାହିଁ; ମାତ୍ର, ତୁମ୍ଭ ଔରସଜାତ ତୁମ୍ଭ ପୁତ୍ର ଆମ୍ଭ ନାମ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବ।’ 20ସଦାପ୍ରଭୁ ଆପଣାର ଉକ୍ତ ଏହି କଥା ସଫଳ କରିଅଛନ୍ତି; କାରଣ, ସଦାପ୍ରଭୁଙ୍କ ପ୍ରତିଜ୍ଞାନୁସାରେ ମୁଁ ଆପଣା ପିତା ଦାଉଦଙ୍କର ପଦରେ ଉତ୍ପନ୍ନ ଓ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହୋଇ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ନାମ ଉଦ୍ଦେଶ୍ୟରେ ସେହି ଗୃହ ନିର୍ମାଣ କଲି। 21ପୁଣି, ସଦାପ୍ରଭୁ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ମିସର ଦେଶରୁ ବାହାର କରି ଆଣିବା ସମୟରେ ସେମାନଙ୍କ ସହିତ ଯେଉଁ ନିୟମ କରିଥିଲେ, ତାହାଙ୍କ ସେହି ନିୟମର ଆଧାର-ସିନ୍ଦୁକ ନିମନ୍ତେ ମୁଁ ତହିଁ ମଧ୍ୟରେ ଏକ ସ୍ଥାନ ନିରୂପଣ କରିଅଛି।”