ଇଲୀଶାୟଙ୍କ ପ୍ରତି ଈଶ୍ୱରଙ୍କ ଆହ୍ୱାନ

19ଏଥିରେ ଏଲୀୟ ଏଠାରୁ ପ୍ରସ୍ଥାନ କରି ଶାଫଟ୍‍ର ପୁତ୍ର ଇଲୀଶାୟଙ୍କର ସନ୍ଧାନ ପାଇଲେ। ସେସମୟରେ ସେ ହଳ ବୁଲାଉଥିଲେ, ତାଙ୍କ ଆଗରେ ବାର ହଳ ବଳଦ ଥିଲେ, ପୁଣି, ସେ ଦ୍ୱାଦଶ ହଳରେ ଥିଲେ; ତହିଁରେ ଏଲୀୟ ତାଙ୍କ ନିକଟକୁ ଯାଇ ଆପଣା ବସ୍ତ୍ର ତାଙ୍କ ଉପରେ ପକାଇଲେ। 20ତହିଁରେ ସେ ବଳଦ ଛାଡ଼ି ଏଲୀୟଙ୍କ ପଛେ ଦୌଡ଼ି ତାଙ୍କୁ କହିଲେ, “ବିନୟ କରୁଅଛି, ମୋʼ ପିତା ଓ ମାତାଙ୍କୁ ଚୁମ୍ବନ ଦେବା ପାଇଁ ଅନୁମତି ଦେଉନ୍ତୁ, ତହିଁ ଉତ୍ତାରେ ମୁଁ ଆପଣଙ୍କ ପଛେ ଯିବି।” ତହୁଁ ଏଲୀୟ ତାଙ୍କୁ କହିଲେ, “ଫେରିଯାଅ; କିନ୍ତୁ ଚିନ୍ତା କର ଆମ୍ଭେ ତୁମ୍ଭର କଅଣ କଲୁ।” 21ତହିଁରେ ସେ ତାଙ୍କ ପଶ୍ଚାତ୍‍ଗମନରୁ ଫେରିଗଲେ ଓ ସେହି ବଳଦ ହଳକ ନେଇ ବଧ କରି ଯୁଆଳି କାଠରେ ସେହି ମାଂସ ସିଦ୍ଧ କରି ଲୋକମାନଙ୍କୁ ଦିଅନ୍ତେ, ସେମାନେ ଭୋଜନ କଲେ। ତହୁଁ ସେ ଉଠି ଏଲୀୟଙ୍କର ପଶ୍ଚାତ୍‍ଗମନ କରି ତାଙ୍କର ପରିଚର୍ଯ୍ୟା କଲେ।