ଜ୍ଞାନ ପାଇଁ ଶଲୋମନଙ୍କ ପ୍ରାର୍ଥନା
1ଏଥିଉତ୍ତାରେ ଶଲୋମନ ମିସରର ରାଜା ଫାରୋ ସହିତ ଆତ୍ମୀୟତା କରି ଫାରୋର କନ୍ୟାକୁ ବିବାହ କଲେ ଓ ଆପଣା ଗୃହ ଓ ସଦାପ୍ରଭୁଙ୍କ ଗୃହ ଓ ଯିରୂଶାଲମର ଚତୁର୍ଦ୍ଦିଗସ୍ଥ ପ୍ରାଚୀରର ନିର୍ମାଣ ସମାପ୍ତ ହେବା ପର୍ଯ୍ୟନ୍ତ ତାହାକୁ ଆଣି ଦାଉଦ-ନଗରରେ ରଖିଲେ। 2ମାତ୍ର, ଲୋକମାନେ ନାନା ଉଚ୍ଚସ୍ଥଳୀରେ ବଳିଦାନ କରୁଥିଲେ, କାରଣ ସେହି ସମୟ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ନାମ ଉଦ୍ଦେଶ୍ୟରେ କୌଣସି ଗୃହ ନିର୍ମିତ ହୋଇ ନ ଥିଲା।
3ପୁଣି, ଶଲୋମନ ଆପଣା ପିତା ଦାଉଦଙ୍କର ବିଧି ଅନୁସାରେ ଆଚରଣ କରି ସଦାପ୍ରଭୁଙ୍କୁ ପ୍ରେମ କଲେ; କେବଳ ସେ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ୱଳାଇଲେ। 4ପୁଣି, ରାଜା ବଳିଦାନ କରିବା ନିମନ୍ତେ ଗିବୀୟୋନ୍ ନଗରକୁ ଗଲେ; କାରଣ ତାହା ବଡ଼ ଉଚ୍ଚସ୍ଥଳୀ ଥିଲା; ଶଲୋମନ ସେହି ଯଜ୍ଞବେଦି ଉପରେ ଏକ ସହସ୍ର ହୋମବଳି ଉତ୍ସର୍ଗ କଲେ।
5ଗିବୀୟୋନ୍ରେ ସଦାପ୍ରଭୁ ରାତ୍ରିରେ ସ୍ୱପ୍ନ ଦ୍ୱାରା ଶଲୋମନଙ୍କୁ ଦର୍ଶନ ଦେଲେ; ଆଉ, ପରମେଶ୍ୱର କହିଲେ, “ଆମ୍ଭେ ତୁମ୍ଭକୁ କଅଣ ଦେବା, ତାହା ମାଗ।” 6ତହିଁରେ ଶଲୋମନ କହିଲେ, “ତୁମ୍ଭ ଦାସ ଆମ୍ଭ ପିତା ଦାଉଦ ତୁମ୍ଭ ଛାମୁରେ ସତ୍ୟତା ଓ ଧାର୍ମିକତା ଓ ମନର ସରଳତାରେ ତୁମ୍ଭ ସହିତ ଗମନାଗମନ କରିବା ପ୍ରମାଣେ ତୁମ୍ଭେ ତାଙ୍କ ପ୍ରତି ମହାଦୟା ପ୍ରକାଶ କଲ; ଆହୁରି ତୁମ୍ଭେ ତାଙ୍କ ପାଇଁ ଏହି ମହାଦୟା ରଖିଅଛ ଯେ, ଆଜିର ନ୍ୟାୟ ତାଙ୍କର ସିଂହାସନରେ ବସିବା ପାଇଁ ତାଙ୍କୁ ଏକ ପୁତ୍ର ଦେଇଅଛ। 7ଏବେ ହେ ସଦାପ୍ରଭୋ, ମୋହର ପରମେଶ୍ୱର, ତୁମ୍ଭେ ମୋʼ ପିତା ଦାଉଦଙ୍କ ପଦରେ ଆପଣାର ଏହି ଦାସକୁ ରାଜା କରିଅଛ; ମାତ୍ର, ମୁଁ ତ କ୍ଷୁଦ୍ର ବାଳକ; କିପରି ବାହାରକୁ ଯିବାକୁ ଓ ଭିତରକୁ ଆସିବାକୁ ହୁଏ, ତାହା ମୁଁ ଜାଣେ ନାହିଁ। 8ଆଉ ତୁମ୍ଭର ଦାସ ତୁମ୍ଭ ମନୋନୀତ ଲୋକମାନଙ୍କ ମଧ୍ୟରେ ଅଛି, ସେମାନେ ବାହୁଲ୍ୟ ସକାଶୁ ଅଗଣ୍ୟ ଓ ଅସଂଖ୍ୟ ଏକ ମହାଗୋଷ୍ଠୀ ଅଟନ୍ତି। 9ଏହେତୁ ଯେପରି ଆମ୍ଭେ ଭଲ ଓ ମନ୍ଦର ପ୍ରଭେଦ ଜାଣି ପାରିବୁ, ଏଥିପାଇଁ ତୁମ୍ଭ ଲୋକମାନଙ୍କର ବିଚାର କରିବା ନିମନ୍ତେ ତୁମ୍ଭର ଏହି ଦାସକୁ ଜ୍ଞାନୀ ମନ ଦିଅ; କାରଣ, ତୁମ୍ଭର ଏହି ମହାଗୋଷ୍ଠୀର ବିଚାର କରିବାକୁ କିଏ ସମର୍ଥ?” 10ଶଲୋମନ ଯେ ଏହି ବିଷୟ ମାଗିଲେ, ଏହି କଥାରେ ପ୍ରଭୁ ସନ୍ତୁଷ୍ଟ ହେଲେ। 11ଏଥିରେ ପରମେଶ୍ୱର ତାଙ୍କୁ କହିଲେ, “ତୁମ୍ଭେ ଏହି ବିଷୟ ମାଗିଅଛ, ପୁଣି, ଆପଣା ନିମନ୍ତେ ଦୀର୍ଘାୟୁ ମାଗି ନାହଁ; କିଅବା ଆପଣା ନିମନ୍ତେ ଐଶ୍ୱର୍ଯ୍ୟ ମାଗି ନାହଁ; ଅଥବା ଆପଣା ଶତ୍ରୁମାନଙ୍କର ପ୍ରାଣ ମାଗି ନାହଁ; ମାତ୍ର ବିଚାର କରିବା ପାଇଁ ଆପଣା ନିମନ୍ତେ ଜ୍ଞାନ ମାଗିଅଛ; 12ଏହେତୁ ଦେଖ, ଆମ୍ଭେ ତୁମ୍ଭ ବାକ୍ୟାନୁସାରେ କଲୁ; ଦେଖ, ଆମ୍ଭେ ତୁମ୍ଭକୁ ଏପରି ଜ୍ଞାନ ଓ ବୁଦ୍ଧିବିଶିଷ୍ଟ ମନ ଦେଲୁ ଯେ, ତୁମ୍ଭ ପୂର୍ବେ ତୁମ୍ଭ ସମାନ କେହି ହୋଇ ନାହିଁ, କିଅବା ତୁମ୍ଭ ଉତ୍ତାରେ ତୁମ୍ଭ ସମାନ କେହି ଉତ୍ପନ୍ନ ହେବ ନାହିଁ। 13ଆହୁରି ତୁମ୍ଭେ ଯେଉଁ ଐଶ୍ୱର୍ଯ୍ୟ ଓ ପ୍ରତାପ ମାଗି ନାହଁ, ସେହି ଦୁଇ ମଧ୍ୟ ଆମ୍ଭେ ତୁମ୍ଭକୁ ଏପରି ଦେଲୁ ଯେ, ତୁମ୍ଭର ଯାବଜ୍ଜୀବନ ରାଜାମାନଙ୍କ ମଧ୍ୟରେ କେହି ତୁମ୍ଭ ସମାନ ହେବ ନାହିଁ। 14ପୁଣି, ତୁମ୍ଭ ପିତା ଦାଉଦ ଯେପରି ଗମନ କଲା, ସେପରି ତୁମ୍ଭେ ଯଦି ଆମ୍ଭର ବିଧି ଓ ଆଜ୍ଞା ପାଳନ କରିବା ପାଇଁ ଆମ୍ଭ ପଥରେ ଗମନ କରିବ, ତେବେ ଆମ୍ଭେ ତୁମ୍ଭର ଆୟୁଷ ବୃଦ୍ଧି କରିବା।”
15ଏଉତ୍ତାରେ ଶଲୋମନ ଜାଗ୍ରତ ହୁଅନ୍ତେ, ଦେଖ, ଏହା ସ୍ୱପ୍ନ-ମାତ୍ର; ତହୁଁ ସେ ଯିରୂଶାଲମକୁ ଯାଇ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସମ୍ମୁଖରେ ଠିଆ ହୋଇ ହୋମବଳି ଉତ୍ସର୍ଗ କଲେ ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରି ଆପଣା ସମସ୍ତ ଦାସଙ୍କ ନିମନ୍ତେ ଏକ ଭୋଜ କଲେ।


