ପବିତ୍ର ଆତ୍ମାଙ୍କ ପ୍ରତିଜ୍ଞା

1ହେ ଥୀୟଫିଲ, ଯେଉଁ ଦିନ ଯୀଶୁ ଆପଣା ମନୋନୀତ ପ୍ରେରିତମାନଙ୍କୁ ପବିତ୍ର ଆତ୍ମାଙ୍କ ଦ୍ୱାରା ଆଜ୍ଞା ଦେଇ ଊର୍ଦ୍ଧ୍ୱକୁ ନିଆଗଲେ, 2ସେହି ଦିନ ପର୍ଯ୍ୟନ୍ତ ସେ ଯେଉଁ ସବୁ କାର୍ଯ୍ୟ କରିବାକୁ ଓ ଶିକ୍ଷା ଦେବାକୁ ଆରମ୍ଭ କରିଥିଲେ, ସେହି ସମସ୍ତ ବିଷୟଗୁଡ଼ିକୁ ମୁଁ ପ୍ରଥମ ପୁସ୍ତକରେ ଲେଖିଅଛି। 3ଯୀଶୁ ଆପଣା ଦୁଃଖଭୋଗ ଉତ୍ତାରେ ମଧ୍ୟ ଅନେକ ପ୍ରମାଣ ଦ୍ୱାରା ପ୍ରେରିତମାନଙ୍କ ନିକଟରେ ନିଜକୁ ଜୀବିତ ଦେଖାଇଲେ, ପୁଣି, ଚାଳିଶ ଦିନ ପର୍ଯ୍ୟନ୍ତ ବାରମ୍ବାର ସେମାନଙ୍କୁ ଦର୍ଶନ ଦେଇ ଈଶ୍ବରଙ୍କ ରାଜ୍ୟ ସମ୍ବନ୍ଧୀୟ ବିଷୟଗୁଡ଼ିକ କହିଲେ। 4ଥରେ ସେମାନଙ୍କ ସହିତ ଭୋଜନରେ ବସିବା ସମୟରେ ସେ ସେମାନଙ୍କୁ ଏହି ଆଜ୍ଞା ଦେଲେ, “ତୁମ୍ଭେମାନେ ଯିରୂଶାଲମ ସହରରୁ ପ୍ରସ୍ଥାନ କର ନାହିଁ, କିନ୍ତୁ ପିତାଙ୍କର ଯେଉଁ ପ୍ରତିଜ୍ଞା ବିଷୟ ମୋʼଠାରୁ ଶୁଣିଅଛ, ସେଥିର ଅପେକ୍ଷାରେ ରହିଥାଅ; 5କାରଣ ଯୋହନ ଜଳରେ ବାପ୍ତିସ୍ମ ଦେଲେ ସତ, କିନ୍ତୁ ତୁମ୍ଭେମାନେ ଅଳ୍ପ ଦିନ ମଧ୍ୟରେ ପବିତ୍ର ଆତ୍ମାରେ ବାପ୍ତିଜିତ ହେବ।”