ଲୁସ୍ତ୍ରା ଓ ଦର୍ବୀରେ କାର୍ଯ୍ୟ

8ଲୁସ୍ତ୍ରାରେ ଜଣେ ଲୋକ ରହୁଥିଲା, ତାହାର ପାଦ ଦୁର୍ବଳ, ସେ ମାତୃଗର୍ଭରୁ ଖଞ୍ଜ, ଆଉ ସେ କେବେ ଚାଲି ନ ଥିଲା। 9ସେହି ଲୋକଟି ପାଉଲଙ୍କ ପ୍ରଚାର ଶୁଣୁଥିଲା। ପାଉଲ ତାହାକୁ ଏକଦୃଷ୍ଟିରେ ଚାହିଁ ସୁସ୍ଥ ହେବା ପାଇଁ ତାହାର ବିଶ୍ୱାସ ଥିବାର ଦେଖି ଉଚ୍ଚସ୍ୱରରେ କହିଲେ, 10ତୁମ୍ଭର ପାଦର ଭାର ଦେଇ ସିଧା ଠିଆ ହୁଅ। ସେଥିରେ ସେ କୁଦା ମାରି ଚାଲିବାକୁ ଲାଗିଲା। 11ପାଉଲ ଯାହା କରିଅଛନ୍ତି, ଲୋକସମୂହ ତାହା ଦେଖି ଲୁକାୟନିଆ ଭାଷାରେ ଉଚ୍ଚସ୍ୱରରେ କହିବାକୁ ଲାଗିଲେ, ଦେବତାମାନେ ମନୁଷ୍ୟରୂପରେ ଆମ୍ଭମାନଙ୍କ ମଧ୍ୟକୁ ଓହ୍ଲାଇ ଆସିଅଛନ୍ତି। 12ସେମାନେ ବର୍ଣ୍ଣବ୍ବାଙ୍କୁ ବୃହସ୍ପତି ବୋଲି କହିଲେ, ପୁଣି, ପାଉଲ ପ୍ରଧାନ ବକ୍ତା ଥିବାରୁ ତାହାଙ୍କୁ ବୁଧ ବୋଲି କହିଲେ। 13ନଗର ସମ୍ମୁଖରେ ଥିବା ବୃହସ୍ପତିଙ୍କ ମନ୍ଦିରର ଯାଜକ କେତେକ ବୃଷ ଓ ପୁଷ୍ପହାର ଦ୍ୱାର ନିକଟକୁ ଆଣି ଲୋକସମୂହ ସହିତ ବଳି ଦେବାକୁ ଇଚ୍ଛା କରିଥିଲେ। 14କିନ୍ତୁ ପ୍ରେରିତମାନେ, ଅର୍ଥାତ୍‍ ବର୍ଣ୍ଣବ୍ବା ଓ ପାଉଲ, ଏହା ଶୁଣି ଆପଣା ଆପଣାର ବସ୍ତ୍ର ଚିରି ଲୋକସମୂହ ମଧ୍ୟକୁ ବେଗେ ଦୌଡ଼ିଯାଇ ଉଚ୍ଚସ୍ୱରରେ କହିବାକୁ ଲାଗିଲେ, 15ହେ ମହାଶୟମାନେ, କାହିଁକି ଏସମସ୍ତ କରୁଅଛନ୍ତି? ଆମ୍ଭେମାନେ ମଧ୍ୟ ଆପଣମାନଙ୍କ ପରି ସୁଖଦୁଃଖଭୋଗୀ ମନୁଷ୍ୟ, ଆପଣମାନଙ୍କ ନିକଟରେ ଏହି ସୁସମାଚାର ପ୍ରଚାର କରୁଅଛୁ, ଯେପରି ଆପଣମାନେ ଏହିସବୁ ଅସାର ବସ୍ତୁଠାରୁ ବିମୁଖ ହୋଇ ଜୀବନ୍ତ ଈଶ୍ବରଙ୍କ ପ୍ରତି ଫେରନ୍ତି। ସେ ଆକାଶମଣ୍ଡଳ, ପୃଥିବୀ, ସମୁଦ୍ର ଓ ସେସବୁରେ ଥିବା ସମସ୍ତ ସୃଷ୍ଟି କରିଅଛନ୍ତି; 16ସେ ଅତୀତ ପୁରୁଷ-ପରମ୍ପରାରେ ସମସ୍ତ ଜାତିର ଲୋକଙ୍କୁ ଆପଣା ଆପଣା ପଥରେ ଚାଲିବାକୁ ଛାଡ଼ିଦେଇଥିଲେ। 17ତଥାପି ସେ ଆପଣାକୁ ସାକ୍ଷ୍ୟ ବିହୀନ କରି ରଖି ନାହାନ୍ତି, କାରଣ ସେ ମଙ୍ଗଳ କରିଅଛନ୍ତି, ଆଉ ଆକାଶରୁ ବୃଷ୍ଟି ଓ ଫଳଦାୟକ ଋତୁ ଗୁଡ଼ିକ ଦେଇ ଭକ୍ଷ ଓ ଆନନ୍ଦରେ ଆପଣମାନଙ୍କ ହୃଦୟ ପରିତୃପ୍ତ କରିଅଛନ୍ତି। 18ଏହିସବୁ କଥା କହି ସେମାନେ ଅତି କଷ୍ଟରେ ସେମାନଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବାରୁ ଲୋକସମୂହଙ୍କୁ ନିବୃତ୍ତ କଲେ।