ଥେସଲନୀକୀ ସହରରେ କାର୍ଯ୍ୟ

1ପରେ ପାଉଲ ଏବଂ ଶିଲା ଆଂଫିପଲି ଓ ଆପଲ୍ଲୋନିଆ ସହରଗୁଡ଼ିକ ଦେଇ ଯାତ୍ରା କରି ଥେସଲନୀକୀ ସହରକୁ ଆସିଲେ; ସେଠାରେ ଯିହୁଦୀମାନଙ୍କର ଗୋଟିଏ ସମାଜଗୃହ ଥିଲା। 2ଆଉ ପାଉଲ ଆପଣା ରୀତି ଅନୁସାରେ ସେମାନଙ୍କ ନିକଟକୁ ଗଲେ, ପୁଣି, ତିନୋଟି ବିଶ୍ରାମବାର ପର୍ଯ୍ୟନ୍ତ ଶାସ୍ତ୍ରର ବାକ୍ୟ ଘେନି ସେମାନଙ୍କୁ ଉପଦେଶ ଦେଲେ, 3ପୁଣି, ଖ୍ରୀଷ୍ଟଙ୍କର ଯେ ଦୁଃଖଭୋଗ ଓ ମୃତମାନଙ୍କ ମଧ୍ୟରୁ ଉତ୍ଥାନ କରିବା ଆବଶ୍ୟକ ଥିଲା, ଆଉ ସେ ଯେଉଁ ଯୀଶୁଙ୍କୁ ସେମାନଙ୍କ ନିକଟରେ ଘୋଷଣା କରୁଅଛନ୍ତି, ସେ ଯେ ଖ୍ରୀଷ୍ଟ, ଏହାର ସ୍ପଷ୍ଟ ପ୍ରମାଣ ଦେଲେ। 4ସେଥିରେ ସେମାନଙ୍କ ମଧ୍ୟରୁ କେତେକ ଜଣ ବିଶ୍ୱାସ କରି ପାଉଲ ଓ ଶୀଲାଙ୍କ ସହିତ ଯୋଗ ଦେଲେ; ପୁଣି, ଯିହୁଦୀମତାବଲମ୍ବୀ ଗ୍ରୀକ୍‍ମାନଙ୍କ ମଧ୍ୟରୁ ବହୁସଂଖ୍ୟକ ଲୋକ ଓ ଅନେକ ଭଦ୍ର ମହିଳା ସେମାନଙ୍କ ସହିତ ଯୋଗ ଦେଲେ। 5କିନ୍ତୁ ଯିହୁଦୀମାନେ ଈର୍ଷାରେ ଜଳିଉଠି ବଜାରର କେତେକ ଦୁଷ୍ଟ ଲୋକଙ୍କୁ ସାଙ୍ଗରେ ଘେନି ଲୋକଗହଳ କରି ନଗରରେ ଗଣ୍ଡଗୋଳ ଲଗାଇଦେଲେ, ଆଉ ଯାସୋନଙ୍କ ଗୃହ ଆକ୍ରମଣ କରି ସେମାନଙ୍କୁ ଲୋକମାନଙ୍କ ନିକଟକୁ ବାହାର କରି ଆଣିବା ପାଇଁ ଚେଷ୍ଟା କଲେ। 6ମାତ୍ର ସେମାନଙ୍କୁ ନ ପାଇବାରୁ ସେମାନେ ଯାସୋନ ଓ କେତେକ ବିଶ୍ୱାସୀ ଭାଇମାନଙ୍କୁ ନଗରର ଶାସନକର୍ତ୍ତାମାନଙ୍କ ନିକଟକୁ ଟାଣିଆଣି ଉଚ୍ଚସ୍ୱରରେ ଡାକି କହିଲେ, ଏ ଯେଉଁ ଲୋକଗୁଡ଼ାକ ଜଗତକୁ ଓଲଟପାଲଟ କରିପକାଇଲେଣି, ସେମାନେ ଏଠାକୁ ମଧ୍ୟ ଆସିଅଛନ୍ତି; ସେମାନଙ୍କୁ ଯାସୋନ ଗ୍ରହଣ କରିଅଛି। 7ଯୀଶୁ ନାମରେ ଆଉ ଜଣେ ରାଜା ଅଛି ବୋଲି କହି ଏମାନେ ସମସ୍ତେ କାଇସରଙ୍କ ଆଜ୍ଞାର ବିରୁଦ୍ଧାଚରଣ କରୁଅଛନ୍ତି। 8ସେମାନଙ୍କର ଏହି କଥା ଶୁଣି ଲୋକସମୂହ ଓ ନଗରର ଶାସନକର୍ତ୍ତାମାନେ ବିଚଳିତ ହେଲେ। 9ପରେ ସେମାନେ ଯାସୋନ ଓ ତାହାଙ୍କ ସଙ୍ଗୀମାନଙ୍କଠାରୁ ଜାମିନ୍ ନେଇ ସେମାନଙ୍କୁ ଛାଡ଼ିଦେଲେ।