ବେରିୟାରେ କାର୍ଯ୍ୟ

10ପୁଣି, ଭାଇମାନେ ଅବିଳମ୍ବରେ ପାଉଲ ଓ ଶୀଲାଙ୍କୁ ରାତି ସମୟରେ ବେରିୟା ନଗରକୁ ପଠାଇଦେଲେ; ସେମାନେ ସେହି ସ୍ଥାନରେ ପହଞ୍ଚି ଯିହୁଦୀମାନଙ୍କ ସମାଜଗୃହକୁ ଗଲେ। 11ଥେସଲନୀକୀ ସହରରେ ଥିବା ଯିହୁଦୀମାନଙ୍କଠାରୁ ଏମାନେ ସୁଶୀଳ ଥିଲେ। ଏମାନେ ପୂର୍ଣ୍ଣ ଆଗ୍ରହରେ ବାକ୍ୟ ଗ୍ରହଣ କଲେ, ପୁଣି, ଏହି ସମସ୍ତ ସତ୍ୟ କି ନା, ତାହା ଜାଣିବା ନିମନ୍ତେ ପ୍ରତିଦିନ ଶାସ୍ତ୍ର ଅନୁସନ୍ଧାନ କରୁଥିଲେ। 12ତେଣୁ ସେମାନଙ୍କ ମଧ୍ୟରୁ ଅନେକେ ଓ ଗ୍ରୀକ୍‌ମାନଙ୍କ ମଧ୍ୟରୁ ଅନେକ ସମ୍ଭ୍ରାନ୍ତ ମହିଳା ଓ ପୁରୁଷ ମଧ୍ୟ ବିଶ୍ୱାସ କଲେ। 13କିନ୍ତୁ ଯେତେବେଳେ ଥେସଲନୀକୀ ସହରରେ ଯିହୁଦୀମାନେ ଜାଣିଲେ ଯେ, ଈଶ୍ବରଙ୍କ ବାକ୍ୟ ପାଉଲଙ୍କ ଦ୍ୱାରା ବେରିୟାରେ ସୁଦ୍ଧା ପ୍ରଚାରିତ ହେଉଅଛି, ସେତେବେଳେ ସେମାନେ ସେ ସ୍ଥାନକୁ ମଧ୍ୟ ଆସି ଲୋକସମୂହଙ୍କୁ ଉତ୍ତେଜିତ ଓ ବିଚଳିତ କଲେ। 14ସେଥିରେ ଭାଇମାନେ ଅବିଳମ୍ବରେ ପାଉଲଙ୍କୁ ସମୁଦ୍ର ଆଡ଼କୁ ଯିବା ପାଇଁ ପଠାଇଦେଲେ, ଆଉ ଶୀଲା ଓ ତୀମଥି ସେହି ସ୍ଥାନରେ ରହିଲେ। 15କିନ୍ତୁ ଯେଉଁମାନେ ପାଉଲଙ୍କୁ ସାଙ୍ଗରେ ଘେନିଗଲେ, ସେମାନେ ତାହାଙ୍କୁ ଆଥିନୀ ପର୍ଯ୍ୟନ୍ତ ଆଣିଲେ, ଆଉ ଶୀଲା ଓ ତୀମଥି ଯେପରି ଅତି ଶୀଘ୍ର ତାହାଙ୍କ ନିକଟକୁ ଆସନ୍ତି, ଏହି ଆଜ୍ଞା ପାଇ ସେମାନେ ପ୍ରସ୍ଥାନ କଲେ।