ଆଥିନୀ ସହରରେ ପାଉଲଙ୍କ କାର୍ଯ୍ୟ

16ଆଥିନୀରେ ପାଉଲ ସେମାନଙ୍କ ଅପେକ୍ଷାରେ ଥିବା ସମୟରେ ସେହି ନଗରକୁ ପ୍ରତିମାରେ ପରିପୂର୍ଣ୍ଣ ଦେଖି ତାହାଙ୍କ ଆତ୍ମା ଉତ୍ତପ୍ତ ହୋଇ ଉଠିଲା। 17ତେଣୁ ସେ ସମାଜଗୃହରେ ଯିହୁଦୀ ଓ ଯିହୁଦୀମତାବଲମ୍ବୀ ଅଣଯିହୁଦୀମାନଙ୍କ ସହିତ, ଆଉ ବଜାର ଛକରେ ପ୍ରତିଦିନ ଯେଉଁମାନଙ୍କ ସାଙ୍ଗରେ ଦେଖା ହେଉଥିଲା, ସେମାନଙ୍କୁ ଉପଦେଶ ଦେଉଥିଲେ। 18ସେଥିରେ ଏପିକୂୂରୀୟ ଓ ସ୍ତୋୟିକ ଦର୍ଶନଶାସ୍ତ୍ରର କେତେକ ଦାର୍ଶନିକ ମଧ୍ୟ ତାହାଙ୍କ ସହିତ ବାଦାନୁବାଦ କରିବାକୁ ଲାଗିଲେ, ପୁଣି, କେହି କେହି କହିଲେ, ଏ ବାଚାଳଟା କଅଣ କହିବାକୁ ଇଚ୍ଛା କରୁଅଛି? ଆଉ କେହି କେହି କହିଲେ, ସେ ଅଜଣା ଦେବତାମାନଙ୍କର ପ୍ରଚାରକ ହେଲା ପରି ଜଣାଯାଉଅଛି; କାରଣ ସେ ଯୀଶୁ ଓ ପୁନରୁତ୍ଥାନ ବିଷୟକ ସୁସମାଚାର ପ୍ରଚାର କରୁଥିଲେ। 19ପରେ ସେମାନେ ତାହାଙ୍କୁ ଆରିୟପାଗକୁ ଘେନିଯାଇ କହିଲେ, ଏହି ଯେ ନୂତନ ଶିକ୍ଷା ଆପଣ ଦେଉଅଛନ୍ତି, ତାହା କଅଣ ବୋଲି ଆମ୍ଭେମାନେ ଜାଣି ପାରିବା କି? 20କାରଣ ଆପଣ କେତେକ ଅଦ୍ଭୁତ ବିଷୟ ଆମ୍ଭମାନଙ୍କ କର୍ଣ୍ଣଗୋଚର କରୁଅଛନ୍ତି; ଅତଏବ ଏହି ସମସ୍ତ କଥାର ଅର୍ଥ କଅଣ, ଆମ୍ଭେମାନେ ତାହା ଜାଣିବାକୁ ଇଚ୍ଛା କରୁ। 21ଆଥିନୀ ସହରର ଲୋକ ସମସ୍ତେ ଓ ସେଠାରେ ପ୍ରବାସୀ ବିଦେଶୀୟମାନେ କେବଳ କୌଣସି ନୂତନ କଥା କହିବା ଓ ଶୁଣିବା ଛଡ଼ା ଆଉ କାହିଁରେ କାଳକ୍ଷେପଣ କରୁ ନ ଥିଲେ।