ଯିହୁଦା ଏବଂ ଇସ୍ରାଏଲ ବିରୁଦ୍ଧରେ ପରମେଶ୍ୱରଙ୍କ ଅଭିଯୋଗ

2ଆହୁରି, ସଦାପ୍ରଭୁଙ୍କ ଓ ଯିହୁଦା ମଧ୍ୟରେ ବିବାଦ ଅଛି,

ସେ ଯାକୁବକୁ ତାହାର ଆଚରଣ ଅନୁଯାୟୀ ଦଣ୍ଡ ଦେବେ;

ତାହାର କ୍ରିୟାନୁସାରେ ସେ ତାହାକୁ ପ୍ରତିଫଳ ଦେବେ।

3ଗର୍ଭରେ ସେ ଆପଣା ଭ୍ରାତାର ପାଦମୂଳ ଧରିଲା

ଓ ବୟଃପ୍ରାପ୍ତ ସମୟରେ ସେ ପରମେଶ୍ୱରଙ୍କ ସହିତ ଯୁଦ୍ଧ କଲା;

4ହଁ, ସେ ଦୂତ ଉପରେ ବଳବାନ ହୋଇ ଜୟ କଲା;

ସେ କ୍ରନ୍ଦନ କରି ତାହାଙ୍କ ନିକଟରେ ବିନତି କଲା;

ସେ ବେଥେଲ୍‍ରେ ତାହାଙ୍କ ଉଦ୍ଦେଶ୍ୟ ପାଇଲା,

ଆଉ ସେଠାରେ ସେ ଆମ୍ଭମାନଙ୍କ ସହିତ କଥା କହିଲେ।

5ସେହି ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର;

ସଦାପ୍ରଭୁ ତାହାଙ୍କର ସ୍ମରଣୀୟ ନାମ।

6ଏଥିନିମନ୍ତେ ତୁମ୍ଭେ ଆପଣା ପରମେଶ୍ୱରଙ୍କ ନିକଟକୁ ଫେର;

ଦୟା ଓ ନ୍ୟାୟବିଚାର ପାଳନ କର

ଓ ସର୍ବଦା ତୁମ୍ଭ ପରମେଶ୍ୱରଙ୍କ ଅପେକ୍ଷାରେ ଥାଅ।

7ସେ ଜଣେ ବ୍ୟବସାୟୀ ଅଟେ, ତାହାର ହସ୍ତରେ ଛଳନାର ନିକ୍ତି ଅଛି;

ସେ ଉପଦ୍ରବ କରିବାକୁ ଭଲ ପାଏ।

8ପୁଣି, ଇଫ୍ରୟିମ କହିଲା, “ନିଶ୍ଚୟ ମୁଁ ଧନୀ ହୋଇଅଛି,

ମୁଁ ଆପଣା ନିମନ୍ତେ ସମ୍ପତ୍ତି ପାଇଅଛି;

ମୋʼ ର ସବୁ ପରିଶ୍ରମରେ ସେମାନେ ପାପଯୁକ୍ତ କୌଣସି ଅଧର୍ମ ମୋʼ ଠାରେ ପାଇବେ ନାହିଁ।”

9ମାତ୍ର ମିସର ଦେଶଠାରୁ ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ଅଟୁ;

ଆମ୍ଭେ ମହାପର୍ବ ଦିନର ନ୍ୟାୟ ତୁମ୍ଭକୁ ପୁନର୍ବାର ତମ୍ବୁରେ ବାସ କରାଇବା।

10ଆହୁରି, ଆମ୍ଭେ ଭବିଷ୍ୟଦ୍‍ବକ୍ତାଗଣ ନିକଟରେ କଥା କହିଅଛୁ

ଓ ଆମ୍ଭେ ନାନା ଦର୍ଶନର ବୃଦ୍ଧି କରିଅଛୁ;

ଆଉ ଭବିଷ୍ୟଦ୍‍ବକ୍ତାଗଣ ଦ୍ୱାରା ଦୃଷ୍ଟାନ୍ତର କଥା ବ୍ୟବହାର କରିଅଛୁ।

11ଯଦି ଗିଲୀୟଦରେ କିଛି ଅଧର୍ମ ଅଛି, ତେବେ ସେମାନେ ସର୍ବତୋଃଭାବେ ଅସାର;

ଗିଲ୍‍ଗଲ୍‍ରେ ସେମାନେ ବୃଷ ବଳିଦାନ କରନ୍ତି;

ହଁ, କ୍ଷେତ୍ରସ୍ଥ ଶିଆରର ଢିପି ପରି ସେମାନଙ୍କର ଯଜ୍ଞବେଦି ଅଛି।

12ପୁଣି, ଯାକୁବ ଅରାମ ଦେଶକୁ ପଳାଇଗଲା

ଓ ଇସ୍ରାଏଲ ଭାର୍ଯ୍ୟାର ନିମନ୍ତେ ଦାସ୍ୟକର୍ମ କଲା

ଓ ଭାର୍ଯ୍ୟା ନିମନ୍ତେ ମେଷ ଚରାଇଲା।

13ସଦାପ୍ରଭୁ ଏକ ଜଣ ଭବିଷ୍ୟଦ୍‍ବକ୍ତା ଦ୍ୱାରା

ଇସ୍ରାଏଲକୁ ମିସରରୁ ବାହାର କରି ଆଣିଲେ

ଓ ଏକ ଜଣ ଭବିଷ୍ୟଦ୍‍ବକ୍ତା ଦ୍ୱାରା ସେ ରକ୍ଷିତ ହେଲା।

14ଇଫ୍ରୟିମ ଅତିଶୟ ବିରକ୍ତ କରାଇଅଛି;

ଏଥିପାଇଁ ତାହାର ରକ୍ତର ଦୋଷ ତାହା ଉପରେ ରହିବ

ଓ ତାହାର ପ୍ରଭୁ ତାହା ଉପରେ ତାହାର ଅପମାନ ବର୍ତ୍ତାଇବେ।