ପରମ୍ପରା ଏବଂ ଈଶ୍ବରଙ୍କ ବାକ୍ୟ
(ମାଥିଉ 15:1-9)
1ପରେ ଫାରୂଶୀମାନେ ଓ ଯିରୂଶାଲମ ସହରରୁ ଆସିଥିବା କେତେକ ଶାସ୍ତ୍ରୀ ତାହାଙ୍କ ନିକଟରେ ଏକତ୍ର ହେଲେ। 2ସେମାନେ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ କେତେକଙ୍କୁ ଅଶୁଚି, ଅର୍ଥାତ୍ ଅଧୁଆ ହାତରେ ଖାଇବା ଦେଖିଲେ। 3ଫାରୂଶୀମାନେ ଓ ସମସ୍ତ ଯିହୁଦୀ ଲୋକ ପ୍ରାଚୀନମାନଙ୍କ ପରମ୍ପରାଗତ ରୀତିନୀତି ପାଳନ କରି ଭଲ ରୂପେ ହାତ ନ ଧୋଇଲେ ଭୋଜନ କରନ୍ତି ନାହିଁ। 4ପୁଣି, ହାଟବଜାରରୁ ଆସି ନିଜେ ଧୋଇ ନ ହେବା ପର୍ଯ୍ୟନ୍ତ ଖାଆନ୍ତି ନାହିଁ; ଆଉ, ଗିନା, ଢାଳ ଓ ପିତଳ ପାତ୍ରଗୁଡ଼ିକ ପାଣିରେ ବୁଡ଼ାଇ ଧୋଇବା ଇତ୍ୟାଦି ଅନ୍ୟାନ୍ୟ ଅନେକ ରୀତିନୀତି ପାଳନ କରିବା ନିମନ୍ତେ ସେମାନେ ଆଦେଶପ୍ରାପ୍ତ କରିଅଛନ୍ତି। 5ଏଣୁ ଫାରୂଶୀମାନେ ଓ ଶାସ୍ତ୍ରୀମାନେ ତାହାଙ୍କୁ ପଚାରିଲେ, ଆପଣଙ୍କର ଶିଷ୍ୟମାନେ ପ୍ରାଚୀନମାନଙ୍କର ପରମ୍ପରାଗତ ରୀତିନୀତି ଅନୁସାରେ କାହିଁକି ଆଚରଣ ନ କରି ଅଶୁଚି ହସ୍ତରେ ଭୋଜନ କରନ୍ତି? 6ସେ ସେମାନଙ୍କୁ କହିଲେ, “ରେ କପଟୀମାନେ, ଯିଶାଇୟ ତୁମ୍ଭମାନଙ୍କ ବିଷୟରେ ଯଥାର୍ଥ ରୂପେ ଭାବବାଣୀ କହିଅଛନ୍ତି, ଯେପରି ଲେଖାଅଛି,
‘ଏହି ଜାତି ମୁଖରେ ଆମ୍ଭକୁ ସମାଦର କରନ୍ତି,
କିନ୍ତୁ ସେମାନଙ୍କ ହୃଦୟ ଆମ୍ଭଠାରୁ ଦୂରରେ ଥାଏ।
7ସେମାନେ ମନୁଷ୍ୟମାନଙ୍କ ବିଧିଗୁଡ଼ିକୁ ଧର୍ମର ଉପଦେଶବାଣୀ ବୋଲି ଶିକ୍ଷା ଦେଇ ବୃଥାରେ ଆମ୍ଭର ଆରାଧନା କରନ୍ତି।’
8ତୁମ୍ଭେମାନେ ଈଶ୍ବରଙ୍କ ଆଜ୍ଞା ପରିତ୍ୟାଗ କରି ମନୁଷ୍ୟମାନଙ୍କ ପରମ୍ପରାଗତ ରୀତିନୀତି ଧରି ବସିଅଛ।” 9ପୁଣି, ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଆପଣା ଆପଣା ପରମ୍ପରାଗତ ରୀତିନୀତି ପାଳନ କରିବା ନିମନ୍ତେ ଈଶ୍ବରଙ୍କ ଆଜ୍ଞା ଅଧିକ ଅଗ୍ରାହ୍ୟ କରୁଅଛ! 10କାରଣ ମୋଶା କହିଅଛନ୍ତି, ‘ଆପଣା ପିତାମାତାଙ୍କୁ ସମାଦର କର, ଆଉ ଯେ କେହି ଆପଣା ପିତା କି ମାତାଙ୍କୁ ଅଭିଶାପ ଦିଏ, ସେ ନିଶ୍ଚୟ ପ୍ରାଣଦଣ୍ଡ ଭୋଗ କରିବ।’ 11କିନ୍ତୁ ତୁମ୍ଭେମାନେ କୁହ, କେହି ଯେବେ ପିତା କି ମାତାକୁ କହେ, ମୋʼଠାରୁ, ଯାହା ଦ୍ୱାରା ତୁମ୍ଭର ଉପକାର ହୋଇଥାଆନ୍ତା, ତାହା ‘କର୍ବାନ୍’, ଅର୍ଥାତ୍ ଈଶ୍ବରଙ୍କୁ ସମର୍ପିତ ହୋଇଅଛି, 12ତେବେ ତୁମ୍ଭେମାନେ ତାହାକୁ ପିତା କି ମାତାର କିଛି ଉପକାର କରିବାକୁ ଆଉ ଦେଉ ନ ଥାଅ; 13ଏହି ରୂପେ ତୁମ୍ଭେମାନେ ସ୍ୱପ୍ରଚଳିତ ପରମ୍ପରାଗତ ରୀତିନୀତି ଯୋଗୁଁ ଈଶ୍ବରଙ୍କ ବାକ୍ୟ ବ୍ୟର୍ଥ କରୁଅଛ ଓ ସେହି ପ୍ରକାର ଅନେକ କର୍ମ କରୁଅଛ।”


