ଶ୍ରେଷ୍ଠ ଆଜ୍ଞା
(ମାଥିଉ 22:34-40; ଲୂକ 10:25-28)
28ସେତେବେଳେ ଶାସ୍ତ୍ରୀମାନଙ୍କ ମଧ୍ୟରୁ ଜଣେ ପାଖକୁ ଆସି ସେମାନଙ୍କର ବାଦାନୁବାଦ ଶୁଣି ଓ ଯୀଶୁ ଯେ ସେମାନଙ୍କୁ ଯଥାର୍ଥ ଉତ୍ତର ଦେଇଅଛନ୍ତି, ଏହା ଜାଣି ତାହାଙ୍କୁ ପଚାରିଲେ, ସମସ୍ତ ଆଜ୍ଞା ମଧ୍ୟରେ କେଉଁ ଆଜ୍ଞା ପ୍ରଧାନ? 29ଯୀଶୁ ଉତ୍ତର ଦେଲେ, “ପ୍ରଧାନ ଆଜ୍ଞା ଏହି, ହେ ଇସ୍ରାଏଲ, ଶୁଣ; ପ୍ରଭୁ ଆମ୍ଭମାନଙ୍କ ଈଶ୍ବର ଏକମାତ୍ର ପ୍ରଭୁ ଅଟନ୍ତି; 30‘ଆଉ ତୁମ୍ଭେ ଆପଣା ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ, ସମସ୍ତ ମନ ଓ ସମସ୍ତ ଶକ୍ତି ଦେଇ ପ୍ରଭୁ ଆପଣା ଈଶ୍ବରଙ୍କୁ ପ୍ରେମ କର।’ 31ଦ୍ୱିତୀୟଟି ଏହି, ‘ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର।’ ଏହି ଆଜ୍ଞାଗୁଡ଼ିକ ଅପେକ୍ଷା ଆଉ କୌଣସି ଶ୍ରେଷ୍ଠ ଆଜ୍ଞା ନାହିଁ।” 32ସେଥିରେ ସେହି ଶାସ୍ତ୍ରୀ ତାହାଙ୍କୁ କହିଲେ, ହେ ଗୁରୁ, ତାହା ସତ୍ୟ, ସେ ଯେ ଏକ ଓ ତାହାଙ୍କ ବିନା ଆଉ କେହି ନାହିଁ, ଏହା ଆପଣ ଯଥାର୍ଥ କହିଅଛନ୍ତି; 33ପୁଣି, ସମସ୍ତ ଅନ୍ତଃକରଣ, ସମସ୍ତ ବୁଦ୍ଧି ଓ ସମସ୍ତ ଶକ୍ତି ଦେଇ ତାହାଙ୍କୁ ପ୍ରେମ କରିବା ଏବଂ ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କରିବା ସମସ୍ତ ହୋମବଳି ଓ ବଳିଦାନ ଅପେକ୍ଷା ଗୁରୁତର। 34ସେ ବୁଦ୍ଧି ସହିତ ଉତ୍ତର ଦେଇଅଛନ୍ତି ଦେଖି ଯୀଶୁ ତାହାଙ୍କୁ କହିଲେ, “ଈଶ୍ବରଙ୍କ ରାଜ୍ୟଠାରୁ ତୁମ୍ଭେ ଦୂରବର୍ତ୍ତୀ ନୁହଁ।” ଏଥିଉତ୍ତାରେ କେହି ତାହାଙ୍କୁ ଆଉ କୌଣସି ପ୍ରଶ୍ନ ପଚାରିବାକୁ ସାହସ କଲେ ନାହିଁ।


