ଗେଥ୍‌ଶିମାନୀରେ ଯୀଶୁଙ୍କର ପ୍ରାର୍ଥନା

(ମାଥିଉ 26:36-46; ଲୂକ 22:39-46)

32ପରେ ସେମାନେ ଗେଥ୍‌ଶିମାନୀ ନାମକ ଗୋଟିଏ ସ୍ଥାନକୁ ଆସିଲେ, ଆଉ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, “ମୁଁ ପ୍ରାର୍ଥନା କରୁଥିବା ପର୍ଯ୍ୟନ୍ତ ତୁମ୍ଭେମାନେ ଏଠାରେ ବସିଥାଅ।” 33ପୁଣି, ସେ ପିତର, ଯାକୁବ ଓ ଯୋହନଙ୍କୁ ସାଙ୍ଗରେ ଘେନି ଅତ୍ୟନ୍ତ ବିସ୍ମୟାନ୍ୱିତ ଓ ବ୍ୟାକୁଳ ହେବାକୁ ଲାଗିଲେ। 34ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ମୋହର ପ୍ରାଣ ମୃତ୍ୟୁଭୋଗ କରିବା ପରି ଅତ୍ୟନ୍ତ ଶୋକାକୁଳ ହେଉଅଛି; ତୁମ୍ଭେମାନେ ଏଠାରେ ରହି ଜାଗିଥାଅ।” 35ପୁଣି, ଯୀଶୁ ଅଳ୍ପ ଦୂର ଆଗକୁ ଯାଇ ଭୂମିରେ ପଡ଼ି, ଯଦି ହୋଇପାରେ, ସେହି ସମୟ ତାହାଙ୍କଠାରୁ ଯେପରି ଦୂର ହୁଏ, ଏଥିନିମନ୍ତେ ପ୍ରାର୍ଥନା କରିବାକୁ ଲାଗିଲେ। 36ଆଉ ଯୀଶୁ କହିଲେ, “ଆବ୍ବା, ପିତଃ, ସମସ୍ତ ତୁମ୍ଭର ସାଧ୍ୟ; ଏହି ପାନପାତ୍ର ମୋʼଠାରୁ ଦୂର କର; ତଥାପି ମୋହର ଇଚ୍ଛା ନୁହେଁ, ମାତ୍ର ତୁମ୍ଭର ଇଚ୍ଛା।” 37ପୁଣି, ସେ ଆସି ଶିଷ୍ୟମାନଙ୍କୁ ନିଦ୍ରିତ ଦେଖିଲେ ଓ ପିତରଙ୍କୁ କହିଲେ, “ଶିମୋନ, ତୁମ୍ଭେ କଅଣ ଶୋଇପଡ଼ିଲ? ଘଣ୍ଟାଏ ହେଲେ ଜାଗି ପାରିଲ ନାହିଁ? 38ପରୀକ୍ଷାରେ ଯେପରି ନ ପଡ଼, ଏଥିପାଇଁ ଜାଗି ରହି ପ୍ରାର୍ଥନା କର; ଆତ୍ମା ଇଚ୍ଛୁକ ସତ୍ୟ, ମାତ୍ର ଶରୀର ଦୁର୍ବଳ।” 39ସେ ପୁନର୍ବାର ଯାଇ ପୂର୍ବ ପରି କଥା କହି ପ୍ରାର୍ଥନା କଲେ। 40ପୁନଶ୍ଚ ସେ ଆସି ସେମାନଙ୍କୁ ନିଦ୍ରିତ ଦେଖିଲେ, କାରଣ ସେମାନଙ୍କ ଆଖି ମାଡ଼ିପଡ଼ୁଥିଲା, ଆଉ ସେମାନେ ତାହାଙ୍କୁ କି ଉତ୍ତର ଦେବେ, ତାହା ଜାଣି ନ ଥିଲେ। 41ଯୀଶୁ ତୃତୀୟ ଥର ଆସି ଶିଷ୍ୟମାନଙ୍କୁ କହିଲେ, “ଅଳ୍ପ କ୍ଷଣ ଶୟନ କରି ବିଶ୍ରାମ କର; ଯଥେଷ୍ଟ ହେଲାଣି; ସେହି ସମୟ ଉପସ୍ଥିତ; ଦେଖ, ମନୁଷ୍ୟପୁତ୍ର ପାପୀମାନଙ୍କ ହସ୍ତରେ ସମର୍ପିତ ହେଉଅଛନ୍ତି। 42ଉଠ, ଆମ୍ଭେମାନେ ଯିବା, ଦେଖ, ଯେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରୁଅଛି, ସେ ନିକଟବର୍ତ୍ତୀ।”