ପୃଥିବୀର ଶସ୍ୟ ଅମଳ

14ତତ୍ପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ଶୁଭ୍ରବର୍ଣ୍ଣ ଖଣ୍ଡେ ମେଘ, ତହିଁ ଉପରେ ମନୁଷ୍ୟପୁତ୍ରଙ୍କ ସଦୃଶ ଜଣେ ଉପବିଷ୍ଟ, ତାହାଙ୍କ ମସ୍ତକରେ ସୁବର୍ଣ୍ଣ ମୁକୁଟ ଓ ହସ୍ତରେ ତୀକ୍ଷ୍ଣ ଦାଆ। 15ସେଥିରେ ମନ୍ଦିରରୁ ଆଉ ଜଣେ ଦୂତ ବାହାରି ସେହି ମେଘାଚ୍ଛନ୍ନ ବ୍ୟକ୍ତିଙ୍କୁ ଉଚ୍ଚସ୍ୱରରେ କହିଲେ, ଆପଣଙ୍କ ଦାଆ ଲଗାଇ ଶସ୍ୟ କାଟନ୍ତୁ, କାରଣ କାଟିବାର ସମୟ ଉପସ୍ଥିତ, ଆଉ ପୃଥିବୀର ଶସ୍ୟ ପରିପକ୍ୱ ହୋଇଅଛି। 16ତହୁଁ ସେହି ମେଘାଛନ୍ନ ବ୍ୟକ୍ତି ପୃଥିବୀରେ ଆପଣା ଦାଆ ଲଗାନ୍ତେ ସେଥିର ଶସ୍ୟ କଟାଗଲା। 17ତତ୍ପରେ ସ୍ୱର୍ଗସ୍ଥ ମନ୍ଦିରରୁ ଆଉ ଜଣେ ଦୂତ ବାହାରି ଆସିଲେ, ତାହାଙ୍କ ହସ୍ତରେ ମଧ୍ୟ ଗୋଟିଏ ତୀକ୍ଷ୍ଣ ଦାଆ ଥିଲା। 18ପୁଣି, ବେଦି ନିକଟରୁ ଆଉ ଜଣେ ଦୂତ ବାହାର ହେଲେ, ସେ ଅଗ୍ନି ଉପରେ କ୍ଷମତା ପ୍ରାପ୍ତ; ଯାହାଙ୍କ ହସ୍ତରେ ତୀକ୍ଷ୍ଣ ଦାଆ ଥିଲା, ତାହାଙ୍କୁ ସେ ଉଚ୍ଚସ୍ୱରରେ ଡାକି କହିଲେ, ତୁମ୍ଭର ତୀକ୍ଷ୍ଣ ଦାଆ ଲଗାଅ ଓ ପୃଥିବୀର ଦ୍ରାକ୍ଷାପେଣ୍ଡାସବୁ ସଂଗ୍ରହ କର, କାରଣ ସେଥିର ଦ୍ରାକ୍ଷାଫଳସବୁ ପରିପକ୍ୱ ହୋଇଅଛି। 19ତହିଁରେ ସେହି ଦୂତ ପୃଥିବୀରେ ଆପଣା ଦାଆ ଲଗାଇ ସେଥିର ଦ୍ରାକ୍ଷାଫଳସବୁ ସଂଗ୍ରହ କଲେ ଓ ଈଶ୍ବରଙ୍କ କ୍ରୋଧରୂପ ମହା ଦ୍ରାକ୍ଷାକୁଣ୍ଡରେ ସେହିସବୁ ନିକ୍ଷେପ କଲେ। 20ନଗରର ବାହାରେ ସେହି ଦ୍ରାକ୍ଷାକୁଣ୍ଡ ଦଳିତ ହେଲା, ଆଉ ସେଥିରୁ ରକ୍ତ ବାହାର ହୋଇ ଅଶ୍ୱମାନଙ୍କ ଲଗାମ ପର୍ଯ୍ୟନ୍ତ ଉଠି ଏକ ଶହ କୋଶ ପର୍ଯ୍ୟନ୍ତ ବ୍ୟାପ୍ତ ହେଲା।