ସପ୍ତମ ପାତ୍ର

17ସପ୍ତମ ଦୂତ ଆପଣା ପାତ୍ର ଆକାଶରେ ଢାଳିଲେ; ତହୁଁ ମନ୍ଦିର ମଧ୍ୟରୁ ସିଂହାସନଠାରୁ ଏହି ଉଚ୍ଚସ୍ୱର ହେଲା, ସମାପ୍ତ ହେଲା। 18ସେତେବେଳେ ବିଦ୍ୟୁତ୍, ବିଭିନ୍ନ ସ୍ୱର ଓ ବଜ୍ରଧ୍ୱନୀ ହେଲା, ପୁଣି, ମହା ଭୂମିକମ୍ପ ହେଲା; ପୃଥିବୀରେ ମନୁଷ୍ୟ ସୃଷ୍ଟ ହେବା ସମୟଠାରୁ ଏପରି ଭୟଙ୍କର ଭୂମିକମ୍ପ ଆଉ କେବେ ହୋଇ ନ ଥିଲା। 19ସେଥିରେ ସେହି ମହାନଗରୀ ତିନି ଭାଗରେ ବିଭକ୍ତ ହେଲା ଓ ଅଣଯିହୁଦୀମାନଙ୍କର ନଗରସମୂହ ଭୂମିସାତ୍‍ ହେଲା; ଆଉ ମହାନଗରୀ ବାବିଲକୁ ଈଶ୍ବର ଆପଣା ପ୍ରଚଣ୍ଡ କ୍ରୋଧରୂପ ସୁରା ପାତ୍ରରୁ ପାନ କରାଇବା ନିମନ୍ତେ ସ୍ମରଣରେ ଆଣିଲେ। 20ପୁଣି, ପ୍ରତ୍ୟେକ ଦ୍ୱୀପ ଦୂରୀଭୂତ ହେଲା ଓ ପର୍ବତଗଣ ଆଉ ଦେଖାଗଲେ ନାହିଁ। 21ଆକାଶରୁ ମନୁଷ୍ୟମାନଙ୍କ ଉପରେ ମହା ଶିଳାବୃଷ୍ଟି ହେଲା, ଶିଳାଗୁଡ଼ିକ ପ୍ରାୟ ଏକ ଏକ ମହଣ ଓଜନର, ଆଉ ଶିଳାବୃଷ୍ଟିର କ୍ଲେଶ ସକାଶୁ ମନୁଷ୍ୟମାନେ ଈଶ୍ବରଙ୍କର ନିନ୍ଦା କଲେ, କାରଣ ସେହି କ୍ଲେଶ ଅତି ଭୟଙ୍କର।