ସହସ୍ର ବର୍ଷର ରାଜତ୍ୱ
1ପରେ ମୁଁ ଜଣେ ଦୂତଙ୍କୁ ସ୍ୱର୍ଗରୁ ଓହ୍ଲାଇ ଆସିବାର ଦେଖିଲି। ତାହାଙ୍କ ହସ୍ତରେ ପାତାଳକୁଣ୍ଡର ଚାବି ଓ ଗୋଟିଏ ବୃହତ୍ ଜଞ୍ଜିର ଥିଲା। 2ସେ ସେହି ସର୍ପ, ସେହି ପୁରାତନ ନାଗ, ଅର୍ଥାତ୍ ଦିଆବଳ ଓ ଶୟତାନକୁ ଧରି ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ବାନ୍ଧି ପକାଇଲେ, 3ପୁଣି, ତାହାକୁ ପାତାଳକୁଣ୍ଡରେ ନିକ୍ଷେପ କରି ସେଥିର ମୁଖ ବନ୍ଦ କଲେ ଓ ତାହା ଉପରେ ମୁଦ୍ରାଙ୍କ ଦେଲେ, ଯେପରି ସେହି ଏକ ସହସ୍ର ବର୍ଷ ଶେଷ ନ ହେବା ପର୍ଯ୍ୟନ୍ତ ସେ ଜାତିସମୂହକୁ ଆଉ ଭ୍ରାନ୍ତ କରିପାରିବ ନାହିଁ; ଏହାପରେ ଅଳ୍ପ କାଳ ନିମନ୍ତେ ତାହାକୁ ମୁକ୍ତ ହେବାକୁ ହେବ। 4ପରେ ମୁଁ ସିଂହାସନସମୂହ ଦେଖିଲି; ସେହିସବୁ ଉପରେ କେତେକ ବ୍ୟକ୍ତି ଉପବେଶନ କଲେ, ସେମାନଙ୍କୁ ବିଚାର କରିବାର କ୍ଷମତା ଦିଆଗଲା। ଆଉ ଯୀଶୁଙ୍କ ସାକ୍ଷ୍ୟ ଓ ଈଶ୍ବରଙ୍କ ବାକ୍ୟ ନିମନ୍ତେ ଯେଉଁମାନଙ୍କର ମସ୍ତକ ଛେଦନ ହୋଇଥିଲା, ପୁଣି, ଯେଉଁମାନେ ସେହି ପଶୁକୁ ବା ତାହାର ପ୍ରତିମାକୁ ପ୍ରଣାମ କରି ନ ଥିଲେ ଓ ତାହାର ଚିହ୍ନ ଆପଣା ଆପଣା କପାଳରେ ଓ ହସ୍ତରେ ଧାରଣ କରି ନ ଥିଲେ, ସେମାନଙ୍କ ଆତ୍ମାମାନଙ୍କୁ ଦେଖିଲି; ସେମାନେ ଜୀବିତ ହୋଇ ଖ୍ରୀଷ୍ଟଙ୍କ ସହିତ ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ରାଜତ୍ୱ କଲେ। 5ଅବଶିଷ୍ଟ ମୃତ ଲୋକମାନେ ସେହି ସହସ୍ର ବର୍ଷ ଶେଷ ନ ହେବା ପର୍ଯ୍ୟନ୍ତ ଜୀବିତ ହେଲେ ନାହିଁ। ଏହା ହିଁ ପ୍ରଥମ ପୁନରୁତ୍ଥାନ। 6ଯେଉଁମାନେ ପ୍ରଥମ ପୁନରୁତ୍ଥାନର ଅଂଶୀ ହୁଅନ୍ତି, ସେମାନେ ଧନ୍ୟ ଓ ପବିତ୍ର; ସେମାନଙ୍କ ଉପରେ ଦ୍ୱିତୀୟ ମୃତ୍ୟୁର କୌଣସି ଅଧିକାର ନାହିଁ, ବରଂ ସେମାନେ ଈଶ୍ବରଙ୍କ ଓ ଖ୍ରୀଷ୍ଟଙ୍କ ଯାଜକ ହୋଇ ଏକ ହଜାର ବର୍ଷ ପର୍ଯ୍ୟନ୍ତ ତାହାଙ୍କ ସହିତ ରାଜତ୍ୱ କରିବେ।


