ନୂତନ ସ୍ୱର୍ଗ ଏବଂ ନୂତନ ପୃଥିବୀ

1ପରେ “ଏକ ନୂତନ ଆକାଶମଣ୍ଡଳ ଓ ନୂତନ ପୃଥିବୀ” ଦେଖିଲି, କାରଣ ପ୍ରଥମ ଆକାଶମଣ୍ଡଳ ଓ ପ୍ରଥମ ପୃଥିବୀ ଲୋପ ପାଇଥିଲା, ପୁଣି, ସମୁଦ୍ର ଆଉ ନ ଥିଲା। 2ପୁଣି, ମୁଁ ପବିତ୍ର ନଗରୀ, ଅର୍ଥାତ୍‍ ନୂତନ ଯିରୂଶାଲମ ସହରକୁ ବର ନିମନ୍ତେ ସଜ୍ଜିତା କନ୍ୟାର ସଦୃଶ ପ୍ରସ୍ତୁତ ହୋଇ ସ୍ୱର୍ଗରୁ ଈଶ୍ବରଙ୍କ ନିକଟରୁ ଅବତରଣ କରିବାର ଦେଖିଲି। 3ଆଉ ମୁଁ ସିଂହାସନ ମଧ୍ୟରୁ ଗୋଟିଏ ମହା ଶଦ୍ଦ ଏହା କହିବାର ଶୁଣିଲି, ଦେଖ, ମନୁଷ୍ୟମାନଙ୍କ ମଧ୍ୟରେ ଈଶ୍ବରଙ୍କ ବାସସ୍ଥାନ ଅଛି, ସେ ସେମାନଙ୍କ ସହିତ ବାସ କରିବେ, ଆଉ ସେମାନେ ତାହାଙ୍କ ଲୋକ ହେବେ, 4ପୁଣି, ଈଶ୍ବର ନିଜେ ସେମାନଙ୍କ ସଙ୍ଗରେ ରହିବେ ଓ ସେମାନଙ୍କ ଚକ୍ଷୁରୁ ଲୋତକ ପୋଛିଦେବେ; ମୃତ୍ୟୁ ଆଉ ଘଟିବ ନାହିଁ; ଶୋକ କି କ୍ରନ୍ଦନ କି ବ୍ୟଥା ଆଉ ହେବ ନାହିଁ; କାରଣ ପୂର୍ବ ବିଷୟସବୁ ଲୋପ ପାଇଅଛି। 5ପରେ ସିଂହାସନ ଉପବିଷ୍ଟ ବ୍ୟକ୍ତି କହିଲେ, ଦେଖ, ଆମ୍ଭେ ସମସ୍ତ ବିଷୟ ନୂତନ କରୁଅଛୁ। ଆଉ ସେ କହିଲେ, ଲେଖ, କାରଣ ଏହି ସମସ୍ତ ବାକ୍ୟ ବିଶ୍ୱାସଯୋଗ୍ୟ ଓ ସତ୍ୟ। 6ସେ ମୋତେ ଆହୁରି କହିଲେ, ସମସ୍ତ ସମାପ୍ତ ହୋଇଅଛି। ଆମ୍ଭେ ଆଲଫା ଏବଂ ଓମେଗା, ଆରମ୍ଭ ଓ ଶେଷ। ଯେ ତୃଷାର୍ତ୍ତ, ତାହାକୁ ଆମ୍ଭେ ଜୀବନରୂପ ନିର୍ଝରରୁ ବିନାମୂଲ୍ୟରେ ପାନ କରିବାକୁ ଦେବୁ। 7ଯେ ଜୟ କରେ, ସେ ଏହି ସମସ୍ତର ଅଧିକାରୀ ହେବ; ଆମ୍ଭେ ତାହାର ଈଶ୍ବର ହେବୁ, ପୁଣି, ସେ ଆମ୍ଭର ପୁତ୍ର ହେବ। 8କିନ୍ତୁ ଯେଉଁମାନେ ଭୀରୁ, ଅବିଶ୍ୱାସୀ, ଘୃଣ୍ୟ-କଳଙ୍କିତ, ନରଘାତକ, ବ୍ୟଭିଚାରୀ, ମାୟାବୀ ଓ ପ୍ରତିମାପୂଜକ, ସେମାନେ ଓ ସମସ୍ତ ମିଥ୍ୟାବାଦୀ, ଅଗ୍ନି ଓ ଗନ୍ଧକ ପ୍ରଜ୍ୱଳିତ ହ୍ରଦରେ ଅଂଶ ପାଇବେ; ଏହା ହିଁ ଦ୍ୱିତୀୟ ମୃତ୍ୟୁ।