Select a Verse

1ତୁମ୍ଭେ କି ବନଶୀ ଦ୍ୱାରା ଲିବିୟାଥନକୁ ଓଟାରି ପାର?

ଅବା ରଜ୍ଜୁରେ ତାହାର ଜିହ୍ୱା ତଳକୁ ଚାପିପାର?

2ତୁମ୍ଭେ କି ତାହାର ନାସାରେ ଦଉଡ଼ି ଦେଇ ପାର?

ଅବା ଅଙ୍କୁଶରେ ତାହାର ଥୋମଣି ଫୋଡ଼ିପାର?

3ସେ କି ତୁମ୍ଭ ନିକଟରେ ଅନେକ ବିନତି କରିବ?

ଅବା ସେ କି ତୁମ୍ଭକୁ କୋମଳ କଥା କହିବ?

4ତୁମ୍ଭେ ତାହାକୁ ଚିରକାଳ ଦାସ କରି ରଖିବା ପାଇଁ

ସେ କି ତୁମ୍ଭ ସଙ୍ଗେ ନିୟମ କରିବ?

5ପକ୍ଷୀ ସଙ୍ଗେ ଖେଳିଲା ପରି ତୁମ୍ଭେ କି ତାହା ସଙ୍ଗେ ଖେଳିବ?

ଅବା ତୁମ୍ଭେ କି ଆପଣା ବାଳିକାମାନଙ୍କ ନିମନ୍ତେ ତାହାକୁ ବାନ୍ଧି ରଖିବ?

6ମତ୍ସ୍ୟଧାରୀଦଳ କି ତାହାକୁ ବାଣିଜ୍ୟ ଦ୍ରବ୍ୟ କରିବେ?

ସେମାନେ କି ବଣିକମାନଙ୍କ ମଧ୍ୟରେ ତାହାକୁ ଭାଗବିଭାଗ କରିବେ?

7ତୁମ୍ଭେ କି ଲୌହ ଅଙ୍କୁଶରେ ତାହାର ଚର୍ମ,

ଅବା ତେଣ୍ଟାରେ ତାହାର ମସ୍ତକ ବିନ୍ଧିପାର?

8ତାହା ଉପରେ ତୁମ୍ଭେ ହସ୍ତକ୍ଷେପ କର;

ଯୁଦ୍ଧ ସ୍ମରଣ କର, ପୁଣି ସେପରି ଆଉ କର ନାହିଁ।

9ଦେଖ, ତାହା ବିଷୟକ ପ୍ରତ୍ୟାଶା ବୃଥା;

କେହି ତାହାକୁ ଦେଖିବାମାତ୍ର କି ତଳେ ପଡ଼ିଯିବ ନାହିଁ?

10ତାହାକୁ ଯେ ଜଗାଇବ, ଏପରି ସାହସିକ କେହି ନାହିଁ;

ତେବେ ଆମ୍ଭ ସମ୍ମୁଖରେ କିଏ ଛିଡ଼ା ହୋଇପାରେ?

11କିଏ ଆଗେ ଆମ୍ଭକୁ ଦେଇଅଛି ଯେ, ଆମ୍ଭେ ତାହାକୁ ପରିଶୋଧ କରିବା?

ସମୁଦାୟ ଆକାଶମଣ୍ଡଳ ତଳେ ଯାହା କିଛି ଅଛି, ସବୁ ହିଁ ଆମ୍ଭର।

12ତାହାର ଅଙ୍ଗପ୍ରତ୍ୟଙ୍ଗ, ଅବା ମହାପରାକ୍ରମ, ଅବା ତାହାର ସୁନ୍ଦର ଗଠନ ବିଷୟରେ

ଆମ୍ଭେ ନୀରବ ରହିବା ନାହିଁ।

13ତାହାର ବାହାର ବସ୍ତ୍ର କିଏ କାଢ଼ିପାରେ?

କିଏ ତାହାର ଦନ୍ତଶ୍ରେଣୀଦ୍ୱୟ ମଧ୍ୟକୁ ଆସିବ?

14କିଏ ତାହାର ମୁଖରୁ କବାଟ ଫିଟାଇପାରେ?

ତାହାର ଦନ୍ତର ଚତୁର୍ଦ୍ଦିଗରେ ତ୍ରାସ ଥାଏ।

15ତାହାର ଶକ୍ତ କାତିସବୁ ତାହାର ଦର୍ପର ବିଷୟ,

ତାହା ଦୃଢ଼ ରୂପେ ମୋହରାଙ୍କିତ ହେଲା ପରି ଏକତ୍ର ବନ୍ଦ ହୋଇଅଛି।

16ଏକଆରେକର ଏତେ ନିକଟ ଯେ,

ବାୟୁ ତହିଁରେ ପ୍ରବେଶ କରିପାରେ ନାହିଁ।

17ତାହାସବୁ ପରସ୍ପର ସଂଯୁକ୍ତ;

ତାହାସବୁ ଏପରି ଏକତ୍ର ଲାଗି ରହିଅଛି ଯେ, ଭିନ୍ନ କରାଯାଇପାରେ ନାହିଁ।

18ତାହାର ଛିଙ୍କରୁ ଆଲୁଅ ଝଟକେ

ଓ ତାହାର ଚକ୍ଷୁ ଅରୁଣର ଚକ୍ଷୁପତା ସଦୃଶ।

19ତାହାର ମୁଖରୁ ଜ୍ୱଳନ୍ତ ମଶାଲ ନିର୍ଗତ ହୁଏ

ଓ ଅଗ୍ନିକଣା ଉଡ଼େ।

20ଯେପରି ରନ୍ଧାହାଣ୍ଡିରୁ

ଓ ଜ୍ୱଳନ୍ତ ତୃଣରୁ, ସେପରି ତାହାର ନାସାରନ୍ଧ୍ରରୁ ଧୂମ ନିର୍ଗତ ହୁଏ।

21ତାହାର ନିଶ୍ୱାସ ଅଙ୍ଗାର ଜ୍ୱଳାଏ ଓ ତାହାର ମୁଖରୁ ଅଗ୍ନିଶିଖା ନିର୍ଗତ ହୁଏ।

22ତାହାର ଗ୍ରୀବାରେ ଶକ୍ତି ଅବସ୍ଥିତି କରେ

ଓ ତାହା ସମ୍ମୁଖରେ ତ୍ରାସ ନୃତ୍ୟ କରେ।

23ତାହାର ମାଂସର ପରସ୍ତ ଏକତ୍ର ସଂଯୁକ୍ତ ଥାଏ;

ତାହାସବୁ ତାହା ଉପରେ ଦୃଢ଼ବଦ୍ଧ ଥାଏ; ତାହାସବୁ ଘୁଞ୍ଚାଯାଇ ପାରେ ନାହିଁ।

24ତାହାର ହୃଦୟ ପ୍ରସ୍ତର ପରି ଦୃଢ଼

ଓ ଚକିର ତଳପଟ ପରି ଦୃଢ଼।

25ସେ ଉଠିଲେ, ବିକ୍ରମୀମାନେ ଭୟଗ୍ରସ୍ତ ହୁଅନ୍ତି;

ଭୟ ସକାଶୁ ସେମାନେ ହତବୁଦ୍ଧି ହୁଅନ୍ତି।

26କେହି ତାହା ଉପରେ ଖଡ୍ଗ ଲଗାଇଲେ, କିଛି ହୁଏ ନାହିଁ;

ବର୍ଚ୍ଛା, ଶୂଳ କି ତୀକ୍ଷ୍ଣ ତୀର ବିଫଳ ହୁଏ।

27ସେ ଲୁହାକୁ କୁଟା ପରି

ଓ ପିତ୍ତଳକୁ ସଢ଼ା କାଠ କରି ଗଣେ।

28ତୀର ତାହାକୁ ତଡ଼ାଇ ପାରେ ନାହିଁ

ଓ ଛାଟିଣୀ ପଥର ତାହା ପ୍ରତି ନଡ଼ା ପରି ହୁଏ।

29ଗଦା ତୃଣ ତୁଲ୍ୟ ଗଣିତ ହୁଏ;

ବର୍ଚ୍ଛା ବଳରେ ଆସିବା ବେଳେ ସେ ହସେ।

30ତାହାର ନିମ୍ନଭାଗ ତୀକ୍ଷ୍ଣ ଖପରା ପରି;

ସେ କାଦୁଅ ଉପରେ କଣ୍ଟାର ମଇ ଚଳାଏ।

31ସେ ଗଭୀର ଜଳକୁ ହାଣ୍ଡି ଜଳ ପରି ଫୁଟାଏ;

ସେ ସମୁଦ୍ରକୁ ଲେପ ପରି କରେ।

32ସେ ଆପଣା ପଛେ ପଛେ ପଥ ଉଜ୍ଜ୍ୱଳ କରେ;

କେହି ମନେ କରିପାରେ, ଜଳଧି ପକ୍ୱକେଶ ହେଲା;

33ପୃଥିବୀରେ ତାହା ପରି

ଭୟରହିତ ହୋଇ କେହି ସୃଷ୍ଟ ହୋଇ ନାହିଁ।

34ସେ ସକଳ ଉଚ୍ଚ ବିଷୟ ଦେଖେ,

ସେ ଯାବତୀୟ ଗର୍ବର ସନ୍ତାନଗଣ ଉପରେ ରାଜା ଅଟେ।”