Select a Verse

ଆୟୁବ - ମୋର ଜୀବନରେ ଭରସା ନାହିଁ

1ପୃଥିବୀରେ କʼଣ ମନୁଷ୍ୟର ଯୁଦ୍ଧ ହୁଏ ନାହିଁ?

ଓ ତାହାର ଦିନସମୂହ କʼଣ ବେତନଜୀବୀର ଦିନ ତୁଲ୍ୟ ନୁହେଁ?

2ଦାସ ଯେପରି ଛାୟାର ଆକାଂକ୍ଷା କରେ,

ବେତନଜୀବୀ ଯେପରି ଆପଣା ବେତନର ଅପେକ୍ଷା କରେ;

3ମୁଁ ସେପରି ଅସାରତାବିଶିଷ୍ଟ ମାସମାନର ଅଧିକାରୀ କରାଯାଇଅଛି

ଓ କ୍ଳାନ୍ତିଜନକ ରାତ୍ରିମାନ ମୋʼ ପାଇଁ ନିରୂପିତ ହୋଇଅଛି।

4ମୁଁ ଶୟନ କାଳରେ କହେ,

‘କେବେ ମୁଁ ଉଠିବି?’ ମାତ୍ର ରାତ୍ରି ଦୀର୍ଘ ହୁଏ;

ଆଉ, ମୁଁ ପ୍ରଭାତ ପର୍ଯ୍ୟନ୍ତ ନିରନ୍ତର ଛଟପଟ ହେଉଥାଏ।

5ମୋହର ମାଂସ କୀଟ ଓ ଧୂଳିଟେଳା ପରିହିତ;

ମୋହର ଚର୍ମ ମିଶିଯାଏ ଓ ପୁନର୍ବାର ଫାଟିଯାଏ।

6ମୋହର ଦିନ ତନ୍ତୀର ନଳୀଠାରୁ ଶୀଘ୍ରଗାମୀ

ଓ ଭରସା ବିନା ବ୍ୟୟ ହୋଇଯାଏ।

7ଆହେ, ମୋହର ପ୍ରାଣ ବାୟୁ ମାତ୍ର ବୋଲି ସ୍ମରଣ କର;

ମୋହର ଚକ୍ଷୁ ଆଉ ମଙ୍ଗଳ ଦେଖିବ ନାହିଁ।

8ଯାହାର ଚକ୍ଷୁ ମୋତେ ଦେଖେ, ସେ ଆଉ ମୋତେ ଦେଖିବ ନାହିଁ;

ମୋʼ ପ୍ରତି ତୁମ୍ଭର ଦୃଷ୍ଟି ପଡ଼ିବ, ମାତ୍ର ମୁଁ ନ ଥିବି।

9ମେଘ ଯେପରି କ୍ଷୟ ପାଇ ଅନ୍ତର୍ହିତ ହୁଏ,

ସେପରି ଯେ ପାତାଳକୁ ଓହ୍ଲାଇଯାଏ, ସେ ଆଉ ଉଠି ଆସିବ ନାହିଁ।

10ସେ ଆଉ ଆପଣା ଗୃହକୁ ଫେରି ଆସିବ ନାହିଁ,

କିଅବା ତାହାର ବାସସ୍ଥାନ ତାହାକୁ ଆଉ ଚିହ୍ନିବ ନାହିଁ।

11ଏହେତୁ ମୁଁ ଆପଣା ମୁଖ ବନ୍ଦ କରିବି ନାହିଁ;

ମୁଁ ଆପଣା ମନର ବେଦନାରେ କଥା କହିବି;

ମୁଁ ଆପଣା ପ୍ରାଣର ତିକ୍ତତାରେ ବିଳାପ କରିବି।

12ମୁଁ କʼଣ ସମୁଦ୍ର ଅବା ତିମିମତ୍ସ୍ୟ ଯେ,

ତୁମ୍ଭେ ମୋʼ ଉପରେ ପ୍ରହରୀ ରଖୁଅଛ?

13ମୋʼ ପଲଙ୍କ ମୋତେ ସାନ୍ତ୍ୱନା ଦେବ,

ମୋହର ଶଯ୍ୟା ମୋର ଦୁଃଖ ଉପଶମ କରିବ ବୋଲି କହିଲା ବେଳେ,

14ତୁମ୍ଭେ ସ୍ୱପ୍ନରେ ମୋତେ ଭୟ ଦେଖାଉଅଛ

ଓ ନାନା ଦର୍ଶନ ଦ୍ୱାରା ମୋତେ ତ୍ରାସଯୁକ୍ତ କରୁଅଛ।

15ତେଣୁ ମୋହର ପ୍ରାଣ ମୋହର ଏହି ଅସ୍ଥି ଅପେକ୍ଷା

ଶ୍ୱାସରୋଧ ଓ ମରଣ ପସନ୍ଦ କରେ।

16ମୁଁ ଆପଣା ପ୍ରାଣକୁ ଘୃଣା କରେ, ମୁଁ ସର୍ବଦା ବଞ୍ଚିବାକୁ ଇଚ୍ଛା କରେ ନାହିଁ;

ମୋତେ ଛାଡ଼; କାରଣ ମୋହର ଆୟୁ ଅସାର।

17ମନୁଷ୍ୟ କିଏ ଯେ, ତୁମ୍ଭେ ତାହା ପ୍ରତି ମନୋଯୋଗ କରିବ

ଓ ତାହା ପ୍ରତି ଆପଣା ହୃଦୟ ରଖିବ,

18ଆଉ, ପ୍ରତି ପ୍ରଭାତରେ ତାହାର ତତ୍ତ୍ୱ ନେବ

ଓ ପ୍ରତି ନିମିଷରେ ତାହାର ପରୀକ୍ଷା କରିବ?

19ତୁମ୍ଭେ କେତେ କାଳ ମୋʼ ଠାରୁ ଆପଣା ଦୃଷ୍ଟି ଫେରାଇବ ନାହିଁ,

କିଅବା ମୁଁ ଆପଣା ଛେପ ଢୋକିବା ପର୍ଯ୍ୟନ୍ତ ମୋତେ ଛାଡ଼ିଦେବ ନାହିଁ?

20ହେ ମନୁଷ୍ୟ-ପ୍ରହରୀ, ମୁଁ ପାପ କଲେ ତୁମ୍ଭର କʼଣ କରେ?

କାହିଁକି ତୁମ୍ଭେ ମୋତେ ଆପଣା ଲକ୍ଷ୍ୟ ରୂପେ ରଖିଅଛ?

ତେଣୁ ମୁଁ ଆପଣା ପ୍ରତି ଭାର ସ୍ୱରୂପ ହେଉଅଛି?

21ପୁଣି, ତୁମ୍ଭେ କାହିଁକି ମୋହର ଅପରାଧ କ୍ଷମା କରୁ ନାହଁ ଓ ମୋହର ଅଧର୍ମ ଦୂର କରୁ ନାହଁ?

କାରଣ ଏବେ ମୁଁ ଧୂଳିରେ ଶୟନ କରିବି;

ପୁଣି, ତୁମ୍ଭେ ଯତ୍ନପୂର୍ବକ ମୋହର ଅନ୍ଵେଷଣ କରିବ, ମାତ୍ର ମୁଁ ନ ଥିବି।”