Select a Verse

ଆୟୁବ - ନିଷ୍ପତ୍ତିକାରୀ କେହି ନାହାନ୍ତି

1ଏଥିରେ ଆୟୁବ ଉତ୍ତର କରି କହିଲା,

2“ଏହା ସତ୍ୟ ବୋଲି ମୁଁ ନିଶ୍ଚୟ ଜାଣେ;

ମାତ୍ର କିପରି ମନୁଷ୍ୟ ପରମେଶ୍ୱରଙ୍କ ନିକଟରେ ଧାର୍ମିକ ହୋଇପାରେ?

3ସେ ତାହା ସଙ୍ଗେ ବାଦାନୁବାଦ କରିବାକୁ ଇଚ୍ଛା କଲେ,

ମନୁଷ୍ୟ ତାହାଙ୍କୁ ସହସ୍ର କଥା ମଧ୍ୟରୁ ଗୋଟିକର ଉତ୍ତର ଦେଇ ପାରିବ ନାହିଁ।

4ସେ ମନରେ ଜ୍ଞାନବାନ ଓ ବଳରେ ପରାକ୍ରାନ୍ତ;

କିଏ ତାହାଙ୍କ ବିରୁଦ୍ଧରେ ଆପଣାକୁ ପ୍ରବଳ କରି ମଙ୍ଗଳ ପାଇଅଛି?

5ସେ ପର୍ବତଗଣକୁ ସ୍ଥାନାନ୍ତର କରନ୍ତି,

ସେ ଆପଣା କ୍ରୋଧରେ ସେମାନଙ୍କୁ ଓଲଟାଇ ପକାଇବା ବେଳେ ସେମାନେ ତାହା ଜାଣନ୍ତି ନାହିଁ।

6ସେ ପୃଥିବୀକୁ ସ୍ୱ ସ୍ଥାନରୁ ହଲାଇ ଦିଅନ୍ତି

ଓ ତହିଁର ସ୍ତମ୍ଭମାନ ଟଳଟଳ ହୁଏ।

7ସେ ବାରଣ କଲେ, ସୂର୍ଯ୍ୟ ଉଦିତ ହୁଏ ନାହିଁ

ଓ ସେ ତାରାଗଣକୁ ବନ୍ଦ କରି ମୁଦ୍ରାଙ୍କିତ କରନ୍ତି।

8ସେ ଏକାକୀ ଆକାଶମଣ୍ଡଳ ପ୍ରସାରନ୍ତି

ଓ ସମୁଦ୍ରର ତରଙ୍ଗ ଉପରେ ଗମନ କରନ୍ତି।

9ସେ ସପ୍ତର୍ଷି, ମୃଗଶୀର୍ଷ ଓ କୃତ୍ତିକା

ଓ ଦକ୍ଷିଣସ୍ଥ ମଣ୍ଡଳ ସୃଷ୍ଟି କରନ୍ତି।

10ସେ ଅନୁଦ୍ଦେଶ୍ୟ ମହାକାର୍ଯ୍ୟ

ଓ ଅସଂଖ୍ୟ ଆଶ୍ଚର୍ଯ୍ୟକ୍ରିୟା କରନ୍ତି।

11ଦେଖ, ସେ ମୋʼ ନିକଟରେ ଗମନ କରନ୍ତି, ମାତ୍ର ମୁଁ ତାହାଙ୍କୁ ଦେଖେ ନାହିଁ;

ମଧ୍ୟ ସେ ଚାଲିଗଲେ, ମୁଁ ତାହାଙ୍କୁ ଚିହ୍ନେ ନାହିଁ।

12ଦେଖ, ସେ ଶିକାର ଧରିଲେ, କିଏ ତାହାଙ୍କୁ ନିବାରଣ କରିପାରେ?

ତୁମ୍ଭେ କଅଣ କରୁଅଛ, ଏହା କିଏ ତାହାଙ୍କୁ କହିବ?

13ପରମେଶ୍ୱର ଆପଣା କ୍ରୋଧ ପ୍ରତ୍ୟାହାର କରିବେ ନାହିଁ;

ରାହବର ସହାୟଗଣ ତାହାଙ୍କ ପାଦ ତଳେ ନତ ହୁଅନ୍ତି।

14ତେବେ ମୁଁ ତାହାଙ୍କୁ କେତେ ଅଳ୍ପ ଉତ୍ତର ଦେବି?

ଓ ତାହାଙ୍କ ସଙ୍ଗେ ଯୁକ୍ତି କରିବାକୁ ଆପଣା କଥା ବାଛିବି?

15ମୁଁ ଧାର୍ମିକ ହେଲେ ହେଁ ତାହାଙ୍କୁ ଉତ୍ତର ଦିଅନ୍ତି ନାହିଁ;

ମୁଁ ଆପଣା ବିପକ୍ଷ ନିକଟରେ ବିନତି କରନ୍ତି।

16ଯଦି ମୁଁ ଡାକିଥାʼନ୍ତି ଓ ସେ ମୋତେ ଉତ୍ତର ଦେଇଥାʼନ୍ତେ,

ତେବେ ହେଁ ସେ ମୋʼ ରବରେ ମନୋଯୋଗ କଲେ ବୋଲି ମୁଁ ବିଶ୍ୱାସ କରନ୍ତି ନାହିଁ।

17କାରଣ ସେ ବତାସରେ ମୋତେ ଭାଙ୍ଗି ପକାନ୍ତି

ଓ ଅକାରଣରେ ମୋହର କ୍ଷତ ବୃଦ୍ଧି କରନ୍ତି।

18ସେ ମୋତେ ନିଶ୍ୱାସ ମାରିବାକୁ ଦିଅନ୍ତି ନାହିଁ,

ମାତ୍ର ମୋତେ ତିକ୍ତତାରେ ପୂର୍ଣ୍ଣ କରନ୍ତି।

19ଆମ୍ଭେମାନେ ବିକ୍ରମୀର ବଳର କଥା କହିଲେ, ଦେଖ, ସେ ଅଛନ୍ତି!

ଓ ବିଚାରର କଥା କହିଲେ, କିଏ ମୋʼ ପାଇଁ ସମୟ ନିରୂପଣ କରିବ?

20ମୁଁ ଧାର୍ମିକ ହେଲେ ହେଁ ମୋର ନିଜ ମୁଖ ମୋତେ ଦୋଷୀ କରିବ।

ମୁଁ ସିଦ୍ଧ ହେଲେ ହେଁ ମୋତେ କୁଟିଳ ବୋଲି ତାହା ପ୍ରମାଣ କରିବ।

21ମୁଁ ସିଦ୍ଧ, ମୁଁ ଆପଣାକୁ ମାନ୍ୟ କରେ ନାହିଁ;

ମୁଁ ଆପଣା ଜୀବନକୁ ତୁଚ୍ଛ କରେ।

22ସବୁ ତ ସମାନ; ଏଥିପାଇଁ ମୁଁ କହେ,

ସେ ସିଦ୍ଧ ଓ ଦୁଷ୍ଟକୁ ସଂହାର କରନ୍ତି।

23ଯଦି କୋରଡ଼ା ହଠାତ୍‍ ମାରି ପକାଏ,

ସେ ନିର୍ଦ୍ଦୋଷର ପରୀକ୍ଷାରେ ହସିବେ।

24ପୃଥିବୀ ଦୁଷ୍ଟମାନଙ୍କ ହସ୍ତରେ ସମର୍ପିତ ହୋଇଅଛି;

ସେ ତହିଁର ବିଚାରକର୍ତ୍ତୃଗଣର ମୁଖ ଆଚ୍ଛାଦନ କରନ୍ତି;

ଯଦି ସେ ନ କରନ୍ତି, ତେବେ ଆଉ କିଏ?

25ମୋହର ଦିନସବୁ ଡାକ ଅପେକ୍ଷା ଶୀଘ୍ରଗାମୀ;

ତାହାସବୁ ପଳାଇଯାଏ, କୌଣସି ମଙ୍ଗଳର ଦର୍ଶନ ପାଏ ନାହିଁ।

26ତାହାସବୁ ବେଗଗାମୀ ଜାହାଜ ପରି

ଓ ଶିକାର ଉପରେ ଝାମ୍ପ ମାରିବା ଉତ୍କ୍ରୋଶ ପକ୍ଷୀ ପରି ଚାଲିଯାଏ।

27ଯଦି ମୁଁ କହେ, ‘ମୁଁ ଆପଣା ବିଳାପ ଭୁଲିଯିବି,

ମୁଁ ଆପଣା ବିଷଣ୍ଣ ମୁଖ ଦୂର କରି ହୃଷ୍ଟଚିତ୍ତ ହେବି;’

28ମୁଁ ଆପଣା ସକଳ ଦୁଃଖ ବିଷୟରେ ଭୀତ ହୁଏ,

ମୁଁ ଜାଣେ, ତୁମ୍ଭେ ମୋତେ ନିର୍ଦ୍ଦୋଷ ଜ୍ଞାନ କରିବ ନାହିଁ।

29ମୁଁ ଦୋଷୀକୃତ ହେବି;

ତେବେ ମୁଁ କାହିଁକି ବୃଥା ପରିଶ୍ରମ କରୁଅଛି?

30ଯଦି ମୁଁ ହିମଜଳରେ ଆପଣାକୁ ଧୌତ କରେ

ଓ ଆପଣା ହସ୍ତ ଅତିଶୟ ପରିଷ୍କାର କରେ,

31ତେବେ ହେଁ ତୁମ୍ଭେ ମୋତେ ଗର୍ତ୍ତରେ ମଗ୍ନ କରିବ

ଓ ମୋହର ନିଜ ବସ୍ତ୍ର ମୋତେ ଘୃଣା କରିବ।

32କାରଣ ସେ ମୋʼ ପରି ମନୁଷ୍ୟ ନୁହନ୍ତି ଯେ, ମୁଁ ତାହାଙ୍କୁ ଉତ୍ତର ଦେବି

ଓ ଆମ୍ଭେମାନେ ଏକତ୍ର ବିଚାର ସ୍ଥାନକୁ ଆସିବା।

33ଆମ୍ଭ ଦୁହିଁଙ୍କ ଉପରେ ହସ୍ତାର୍ପଣ କରିବାକୁ ସମର୍ଥ

କୌଣସି ମଧ୍ୟସ୍ଥ ଆମ୍ଭମାନଙ୍କ ମଧ୍ୟରେ ନାହିଁ।

34ସେ ମୋʼ ଠାରୁ ଆପଣା ଯଷ୍ଟି ଦୂର କରନ୍ତୁ

ଓ ତାହାଙ୍କ ଭୟଙ୍କରତା ମୋତେ ଭୀତ ନ କରୁ;

35ତେବେ ମୁଁ ତାହାଙ୍କୁ ଭୟ ନ କରି କଥା କହିବି;

କାରଣ ମୁଁ ନିଜେ ସେହିପରି ନୁହେଁ।