Select a Verse

ପରମେଶ୍ୱରଙ୍କ ଦ୍ୱାରା ଗୋଷ୍ଠୀଗଣର ବିଚାର

1କାରଣ ଦେଖ, ସେହି ଦିନରେ ଓ ସେହି ସମୟରେ,

ଯେତେବେଳେ ଆମ୍ଭେ ଯିହୁଦା ଓ ଯିରୂଶାଲମର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା,

2ସେତେବେଳେ ଆମ୍ଭେ ଯାବତୀୟ ଗୋଷ୍ଠୀଙ୍କୁ ସଂଗ୍ରହ କରି

ସେମାନଙ୍କୁ ଯିହୋଶାଫଟ୍‍ (ସଦାପ୍ରଭୁଙ୍କ ବିଚାର) ଉପତ୍ୟକାକୁ ଓହ୍ଲାଇ ଆଣିବା;

ଆଉ, ସେମାନଙ୍କ ସଙ୍ଗେ ଆମ୍ଭ ଲୋକମାନଙ୍କର

ଓ ଆମ୍ଭ ଅଧିକାର ଇସ୍ରାଏଲ ସପକ୍ଷରେ ବାଦାନୁବାଦ କରିବା,

କାରଣ ସେମାନେ ସେମାନଙ୍କୁ ନାନା ଗୋଷ୍ଠୀ ମଧ୍ୟରେ ଛିନ୍ନଭିନ୍ନ କରି

ଆମ୍ଭର ଦେଶ ବିଭାଗ କରିଅଛନ୍ତି।

3ପୁଣି, ସେମାନେ ଆମ୍ଭ ଲୋକମାନଙ୍କ ନିମନ୍ତେ ଗୁଲିବାଣ୍ଟ କରିଅଛନ୍ତି

ଓ ଏକ ବେଶ୍ୟା ପାଇଁ ଏକ ବାଳକ ଦେଇଅଛନ୍ତି

ଓ ପାନ କରିବା ନିମନ୍ତେ ଦ୍ରାକ୍ଷାରସ ପାଇଁ ବାଳିକା ବିକ୍ରୟ କରିଅଛନ୍ତି।

4ଆହୁରି, ହେ ସୋର, ସୀଦୋନ ଓ ପଲେଷ୍ଟୀୟାର ସକଳ ଅଞ୍ଚଳ,

ତୁମ୍ଭେମାନେ ଆମ୍ଭ ପ୍ରତି କଅଣ କରିବ?

ତୁମ୍ଭେମାନେ କି ଆମ୍ଭକୁ ପ୍ରତିଫଳ ଦେବ?

ଓ ତୁମ୍ଭେମାନେ ଆମ୍ଭକୁ ପ୍ରତିଫଳ ଦେଲେ,

ଆମ୍ଭେ ଅବିଳମ୍ବରେ ଓ ଅତି ଶୀଘ୍ରରେ ତୁମ୍ଭମାନଙ୍କର ପ୍ରତିଫଳ

ତୁମ୍ଭମାନଙ୍କର ନିଜ ମସ୍ତକରେ ବର୍ତ୍ତାଇବା।

5କାରଣ ତୁମ୍ଭେମାନେ ଆମ୍ଭର ରୂପା ଓ ସୁନା ହରଣ କରିଅଛ,

ଆଉ ଆମ୍ଭର ଉତ୍ତମ ମନୋହର ପଦାର୍ଥମାନ

ଆପଣାମାନଙ୍କର ମନ୍ଦିରକୁ ବହି ନେଇ ଯାଇଅଛ;

6ଆହୁରି ଯିହୁଦାର ସନ୍ତାନଗଣକୁ ଓ ଯିରୂଶାଲମର ସନ୍ତାନଗଣକୁ

ସେମାନଙ୍କ ସୀମାରୁ ଦୂର କରିବା ନିମନ୍ତେ

ଗ୍ରୀସ୍‍ର ସନ୍ତାନଗଣ ନିକଟରେ ସେମାନଙ୍କୁ ବିକ୍ରୟ କରିଅଛ।

7ଦେଖ, ତୁମ୍ଭେମାନେ ଯେଉଁ ସ୍ଥାନରେ ସେମାନଙ୍କୁ ବିକ୍ରୟ କରିଅଛ,

ଆମ୍ଭେ ସେମାନଙ୍କର ପ୍ରବୃତ୍ତି ଜନ୍ମାଇ ସେହି ସ୍ଥାନରୁ ବାହାର କରିବା

ଓ ତୁମ୍ଭମାନଙ୍କର ପ୍ରତିଫଳ ତୁମ୍ଭମାନଙ୍କର ମସ୍ତକରେ ବର୍ତ୍ତାଇବା;

8ପୁଣି, ଆମ୍ଭେ ତୁମ୍ଭମାନଙ୍କର ପୁତ୍ରଗଣ ଓ ତୁମ୍ଭମାନଙ୍କର କନ୍ୟାଗଣଙ୍କୁ

ଯିହୁଦାର ସନ୍ତାନଗଣର ହସ୍ତରେ ବିକ୍ରୟ କରିବା,

ତହିଁରେ ସେମାନେ ସେମାନଙ୍କୁ

ଦୂର ଗୋଷ୍ଠୀୟ ଶିବାୟୀୟ ଲୋକମାନଙ୍କ ନିକଟରେ ବିକ୍ରୟ କରିବେ;

କାରଣ ସଦାପ୍ରଭୁ ଏହା କହିଅଛନ୍ତି।”

9ତୁମ୍ଭେମାନେ ଗୋଷ୍ଠୀବର୍ଗ ମଧ୍ୟରେ ଏହି କଥା ପ୍ରଚାର କର;

ଯୁଦ୍ଧ ଆୟୋଜନ କର; ବୀରମାନଙ୍କର ପ୍ରବୃତ୍ତି ଜନ୍ମାଅ;

ଯୋଦ୍ଧା ସମସ୍ତେ ନିକଟକୁ ଆସି ଉପସ୍ଥିତ ହେଉନ୍ତୁ।

10ତୁମ୍ଭେମାନେ ଆପଣା ଆପଣା ଲଙ୍ଗଳର ଫାଳ ଭାଙ୍ଗି ଖଡ୍ଗ ଗଢ଼ାଅ

ଓ ଆପଣା ଆପଣା ଦାଆ ଭାଙ୍ଗି ବର୍ଚ୍ଛା ଗଢ଼:

ଦୁର୍ବଳ ଲୋକ କହୁ, ମୁଁ ବଳବାନ।

11ହେ ଚତୁର୍ଦ୍ଦିଗସ୍ଥ ଗୋଷ୍ଠୀସକଳ,

ତୁମ୍ଭେମାନେ ଚଞ୍ଚଳ ହୋଇ ଆସ ଓ ଆପଣାମାନଙ୍କୁ ଏକତ୍ର କର;

ହେ ସଦାପ୍ରଭୁ, ସେହି ସ୍ଥାନକୁ ତୁମ୍ଭେ ଆପଣା ବୀରଗଣକୁ ଓହ୍ଲାଇ ଆଣ।

12ଗୋଷ୍ଠୀବର୍ଗ ଉଦ୍‍ଯୋଗୀ ହୋଇ ଉଠନ୍ତୁ

ଓ ଯିହୋଶାଫଟ୍‍ର ଉପତ୍ୟକାକୁ ଆସନ୍ତୁ;

କାରଣ ସେସ୍ଥାନରେ ଆମ୍ଭେ ଚତୁର୍ଦ୍ଦିଗସ୍ଥ ସକଳ ଗୋଷ୍ଠୀର

ବିଚାର କରିବା ପାଇଁ ବସିବା।

13ତୁମ୍ଭେମାନେ ଦାʼ ଲଗାଅ କାରଣ ଶସ୍ୟ ପାଚିଅଛି;

ତୁମ୍ଭେମାନେ ଆସି ଦଳନ କର;

କାରଣ ଦ୍ରାକ୍ଷାଯନ୍ତ୍ର ପୂର୍ଣ୍ଣ ହୋଇଅଛି, କୁଣ୍ଡସବୁ ଉଚ୍ଛୁଳି ପଡ଼ୁଅଛି;

କାରଣ ସେମାନଙ୍କର ଦୁଷ୍ଟତା ବଡ଼।

14ଦଣ୍ଡାଜ୍ଞାର ଉପତ୍ୟକାରେ ଲୋକାରଣ୍ୟ, ଲୋକାରଣ୍ୟ!

କାରଣ ଦଣ୍ଡାଜ୍ଞାର ଉପତ୍ୟକାରେ ସଦାପ୍ରଭୁଙ୍କର ଦିନ ସନ୍ନିକଟ ହୋଇଅଛି।

15ସୂର୍ଯ୍ୟ ଓ ଚନ୍ଦ୍ର ଅନ୍ଧକାରମୟ ହୋଇଅଛନ୍ତି

ଓ ନକ୍ଷତ୍ରଗଣ ଆପଣା ଆପଣା ତେଜ ରହିତ କରୁଅଛନ୍ତି।

ଯିହୁଦାର ଗୌରବମୟ ଭବିଷ୍ୟତ

16ପୁଣି, ସଦାପ୍ରଭୁ ସିୟୋନରୁ ଗର୍ଜ୍ଜନ କରିବେ

ଓ ଯିରୂଶାଲମରୁ ଆପଣା ରବ ଶୁଣାଇବେ;

ତହିଁରେ ଆକାଶମଣ୍ଡଳ ଓ ପୃଥିବୀ କମ୍ପିତ ହେବେ;

ମାତ୍ର ସଦାପ୍ରଭୁ ଆପଣା ଲୋକମାନଙ୍କ ପ୍ରତି ଆଶ୍ରୟ ହେବେ

ଓ ଇସ୍ରାଏଲ-ସନ୍ତାନଗଣ ପ୍ରତି ଦୃଢ଼ ଦୁର୍ଗ ହେବେ।

17ତହିଁରେ ଆମ୍ଭେ ଯେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ

ଓ ଆପଣା ପବିତ୍ର ପର୍ବତ ସିୟୋନରେ ବାସ କରୁ, ଏହା ତୁମ୍ଭେମାନେ ଜାଣିବ;

ତହିଁରେ ଯିରୂଶାଲମ ପବିତ୍ର ହେବ ଓ ବିଦେଶୀୟମାନେ

ତହିଁ ମଧ୍ୟଦେଇ ଆଉ ଗମନାଗମନ କରିବେ ନାହିଁ।

18ସେଦିନ ପର୍ବତଗଣ ମିଷ୍ଟ ଦ୍ରାକ୍ଷାରସ ଝରାଇବେ,

ଉପପର୍ବତଗଣ ଦୁଗ୍ଧରେ ପ୍ରବାହିତ ହେବେ

ଓ ଯିହୁଦାର ନଦୀ ସ୍ରୋତସକଳ ଜଳରେ ପ୍ରବାହିତ ହେବେ;

ପୁଣି, ସଦାପ୍ରଭୁଙ୍କ ଗୃହରୁ ଏକ ନିର୍ଝର ନିର୍ଗତ ହେବ,

ତାହା ଶିଟୀମର ଉପତ୍ୟକାକୁ ଜଳମୟ କରିବ।

19ଯିହୁଦାର ସନ୍ତାନଗଣ ପ୍ରତି କୃତ ଉପଦ୍ରବ ସକାଶୁ

ମିସର ଧ୍ୱଂସସ୍ଥାନ ହେବ ଓ ଇଦୋମ ଧ୍ୱଂସିତ ପ୍ରାନ୍ତର ହେବ,

କାରଣ ସେମାନେ ଆପଣାମାନଙ୍କ ଦେଶରେ

ନିର୍ଦ୍ଦୋଷର ରକ୍ତପାତ କରିଅଛନ୍ତି।

20ମାତ୍ର ଯିହୁଦା ଚିରକାଳ

ଓ ଯିରୂଶାଲମ ପୁରୁଷାନୁକ୍ରମେ ରହିବ।

21ପୁଣି, ଆମ୍ଭେ ସେମାନଙ୍କର ଯେଉଁ ରକ୍ତକୁ ନିର୍ଦ୍ଦୋଷ କରି ନାହୁଁ,

ତାହା ନିର୍ଦ୍ଦୋଷ କରିବା।

କାରଣ ସଦାପ୍ରଭୁ ସିୟୋନରେ ବାସ କରନ୍ତି।